Latest Odisha News

୧୮ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଉଦ୍‌ଘାଟିତ

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଜନତା ମୈଦାନରେ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଯୋଗଦେଇ ମେଳାର ଶୁଭାରମ୍ଭ କରିଥିଲେ ।

ଏହି ଅବସରରେ ୨୦୨୨ ବର୍ଷ ପାଇଁ ହସ୍ତଶିଳ୍ପ କ୍ଷେତ୍ରରେ ୧୧ ଜଣ ଶିଳ୍ପୀଙ୍କୁ ସମ୍ମାନିତ କରାଯାଇଛି । ଓଡ଼ିଶାର କଳା ଓ ସଂସ୍କୃତି କ୍ଷେତ୍ରରେ ମହତ୍ତ୍ୱପୂର୍ଣ୍ଣ ଅବଦାନ ପାଇଁ ବିଶିଷ୍ଟ ଶିଳ୍ପୀ ବିଜୟ କୁମାର ପରିଡାଙ୍କୁ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡରେ, ୫ ଜଣ ଶିଳ୍ପୀଙ୍କୁ ରାଜ୍ୟ ହସ୍ତଶିଳ୍ପ ଆୱାର୍ଡରେ ଓ ୫ ଜଣ ଶିଳ୍ପୀଙ୍କୁ କଳାକୃତି ସମ୍ମାନରେ ସମ୍ମାନିତ କରାଯିବା ସହ ମାନପତ୍ର ପ୍ରଦାନ କରାଯାଇଥିଲା ।

ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ବିଜ୍ଞାନ ଓ କାରିଗରୀ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ସୁଦର୍ଶନ ସାହୁ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ, ସ୍ୱତନ୍ତ୍ର ସଚିବ, ସରୋଜ କୁମାର ପଟେଲ, ବୟନ ଓ ହସ୍ତତନ୍ତ ନିର୍ଦ୍ଦେଶକ ଶୋଭନ କ୍ରୀଷ୍ଣା ସାହୁ ତଥା ହସ୍ତଶିଳ୍ପ ନିର୍ଦ୍ଦେଶିକା ପ୍ରଣତୀ ଛୋଟରାୟ ଓ ଅନ୍ୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

ଆଜିର ଏହି କାର୍ଯ୍ୟକ୍ରମରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରିତା ସାହୁ ଯୋଗଦେଇ ଥିମ ପାଭିଲିୟନ୍‌ର ଶୁଭ ଉଦ୍‌ଘାଟନ କରିଥିଲେ । ମୁଖ୍ୟମନ୍ତ୍ରୀ କାରିଗର ଓ ବୁଣାକାରମାନଙ୍କ ଉଦ୍ଦେଶ୍ୟରେ ଦେଇଥିବା ବାର୍ତ୍ତାକୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ ପାଠ କରିଥିଲେ । ଓଡ଼ିଶା କଳାର ରାଜ୍ୟ, କଳାଭୂମି । ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତତନ୍ତ ଦେଶ ବିଦେଶରେ ଗୌରବ ବୃଦ୍ଧି କରିଛି ଏବଂ କାରିଗରମାନଙ୍କ ପାଇଁ ସମ୍ମାନ ଆଣିଛି । ଏହି ମାଟିର କାରିଗରମାନଙ୍କର ଦକ୍ଷତାର ତୁଳନା ନାହିଁ । ଏହା ସହ ଏହି ପ୍ରତିଭାଧରମାନଙ୍କୁ ବିଶେଷ ଅଭିନନ୍ଦନ ଜ୍ଞାପନ କରିଥିଲେ ଓ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାରେ ବିଭିନ୍ନ ରାଜ୍ୟର କାରିଗରମାନଙ୍କୁ ସ୍ୱାଗତ କରିଥିଲେ ।

ଏହି ଅବସରରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ ବିଚିତ୍ରାନନ୍ଦ ସ୍ୱାଇଁ ଓ ସାଥୀମାନେ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ । ଉଦ୍ଘାଟନୀ ସମାରୋହର ଶେଷରେ ବୟନ ଓ ହସ୍ତତନ୍ତ ନିିର୍ଦ୍ଦେଶକ ଶୋଭନ କ୍ରୀଷ୍ଣା ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ଏହି ମେଳାରେ ମୋଟ ୫୬୦ଟି ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ଷ୍ଟଲ ସ୍ଥାନ ପାଇଛି । ଚଳିତବର୍ଷ ଫୁଡ୍‌ କୋର୍ଟରେ ଓଡ଼ିଶାରେ ପାରମ୍ପରିକ ଖାଦ୍ୟ ପରିବେଷଣ ହେବା ସହିତ ବିଭିନ୍ନ ରାଜ୍ୟର ସୁସ୍ୱାଦୁ ଖାଦ୍ୟର ଆସର ଜମିଛି । ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଡିସେମ୍ବର ୨୬ ତାରିଖ ପର୍ଯ୍ୟନ୍ତ ଦିବା ୨.୩୦ରୁ ରାତି ୯.୩୦ ପର୍ଯ୍ୟନ୍ତ ଖୋଲା ରହିବ ।

Leave A Reply

Your email address will not be published.