Latest Odisha News

୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତପ୍ରସ୍ତର ସ୍ଥାପନ, ଖର୍ଚ୍ଚ ହେବ ୪,୬୦୦ କୋଟି ଟଙ୍କା

ଭୁବନେଶ୍ବର: ଆଜି ରାଜ୍ୟର ୧୩ ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ଖର୍ଚ୍ଚ ହେବ ୪ ହଜାର ୬୦୦ କୋଟି ଟଙ୍କା । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ଆମର ଏହି ପ୍ରକଳ୍ପ ଦ୍ୱାରା ଚାଷୀ ଭାଇଭଉଣୀମାନେ ବହୁଳ ଭାବେ ଉପକୃତ ହେବେ । ବିଶେଷ କରି ପିଇବା ପାଣି ଯୋଗାଣ କ୍ଷେତ୍ରରେ ସୁବିଧା ହେବ । ଏହା ସହିତ ମାଛ ଚାଷ, ପଶୁପାଳନ ଆଦିରେ ମଧ୍ୟ ସହାୟକ ହେବ । ଏହି ପ୍ରକଳ୍ପ ସବୁ ଭୂତଳ ଜଳ ସ୍ତର ବୃଦ୍ଧି କରି ପରିବେଶକୁ ସନ୍ତୁଳିତ କରିବ । ଆମର ନିରନ୍ତର ବିକାଶ ପାଇଁ ଏପରି ପ୍ରକଳ୍ପ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ । ଏହା ସହିତ ବନ୍ୟା ନିୟନ୍ତ୍ରଣରେ ମଧ୍ୟ ଏହି ପ୍ରକଳ୍ପଗୁଡିକ ସହାୟକ ହେବ ବୋଲି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

 

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ୨୦୨୦ରେ ଅନ୍ତଃ ନଦୀ ଜଳାଶୟ ପାଇଁ ୧୧ ହଜାର ୭୦୦ କୋଟି ଟଙ୍କାରେ ଯୋଜନା ଆରମ୍ଭ ହୋଇଥିଲା । ବର୍ତ୍ତମାନ ସୁଦ୍ଧା ୩ଟି ପର୍ଯ୍ୟାୟରେ ୭୨ଟି ପ୍ରକଳ୍ପ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି । ଆଜି ୧୩ ଟି ଜିଲ୍ଲା ଯଥା- ବରଗଡ, ବଲାଙ୍ଗିର, ବୌଦ୍ଧ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ ଜିଲ୍ଲାରେ ୧୯ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ରଖାଗଲା । ଆମର ସବୁ କାର୍ଯ୍ୟକ୍ରମ ଲୋକମତ ଓ ଜନ ସହଭାଗିତା ଭିତ୍ତିରେ କରାଯାଉଛି ।

 

ରାଜ୍ୟରେ ଚାଷୀମାନଙ୍କର କଲ୍ୟାଣାର୍ଥେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ପ୍ରକଳ୍ପ ଚାଷୀର ବିକାଶ ଓ ପରିବେଶର ସୁରକ୍ଷା ପାଇଁ ଉଦ୍ଦିଷ୍ଟ। ଆମର କାଳିଆ ଯୋଜନା, କୃଷକମାନଙ୍କ ପାଇଁ ବିନା ସୁଧରେ ଋଣ ସୁବିଧା, ଶସ୍ୟ ବୀମା ପ୍ରିମିୟମ ପ୍ରଦାନ ଇତ୍ୟାଦି କାର୍ଯ୍ୟକ୍ରମ ରାଜ୍ୟରେ ଚାଷୀମାନଙ୍କର ଆତ୍ମବିଶ୍ୱାସକୁ ବୃଦ୍ଧି କରିଛି । ଚାଷୀର ଉନ୍ନତି ହେଲେ ରାଜ୍ୟର ଉନ୍ନତି ହେବ । ସେମାନଙ୍କ ଉନ୍ନତି ପାଇଁ ଆମେ କାମ କରୁଛୁ ଓ ଆଗାମୀ ଦିନରେ କାମ କରି ଚାଲିବୁ ସେ କହିଥିଲେ ।

Comments are closed.