Latest Odisha News

BREAKING NEWS

ସୁନ୍ଦରଗଡ଼ରେ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଓ 5T ସଚିବ

ଭୁବନେଶ୍ବର : ସୁନ୍ଦରଗଡ଼ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ 5T ସଚିବ ଭି.କେ ପାଣ୍ଡିଆନ୍ । ଗସ୍ତ ଅବସରରେ କୁନ୍ଦୁକେଲାସ୍ଥିତ ୩୩/୧୧ କେଭି ବିଦ୍ୟୁତ ଗ୍ରୀଡ ସବ୍‌ଷ୍ଟେସନ, ଭେଡାବାହାଲ କୋଲ୍‌ କରିଡର, ଭବାନୀପୁର ଠାରେ ଆଧୁନିକ ବାଲା ମଡେଲରେ ନିର୍ମିତ ଅଙ୍ଗନବାଡୀ କେନ୍ଦ୍ର ଏବଂ କିଂଜିରିମା ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ବୁଲି ଦେଖି 5T ସଚିବ । ଏହାସହ ଶିକ୍ଷା, ମହିଳା ଓ ଶିଶୁବିକାଶ, ପୋଷଣ, ଜୀବିକା, ସଂଯୋଗୀକରଣ, ପାନୀୟ ଜଳ, କୃଷି ଓ ଜଳସେଚନ ଆଦି ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ମଧ୍ୟ ସମୀକ୍ଷା କରାଯାଇଛି ।

କୋଭିଡ ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ଲାଗି ସ୍ବାସ୍ଥ୍ୟ ଭିତ୍ତିମିର ପ୍ରସ୍ତୁତି ଏବଂ ବିଶେଷ କରି ଶିଶୁମାନଙ୍କ ଚିକିତ୍ସା ଲାଗି ICU ତଥା ଆବଶ୍ୟକୀୟ ବ୍ୟବସ୍ଥା ସଂପର୍କରେ ସୁନ୍ଦରଗଡସ୍ଥିତ NTPC କୋଭିଡ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଅନୁଧ୍ୟାନ କରିଥିଲେ 5T ସଚିବ । ଏହାସହ ଜିଲ୍ଲାରେ କ୍ରୀଡା ଭିତ୍ତିଭୂମି ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଛି । ରାଜ୍ୟ ସରକାରଙ୍କର ୫-ଟି କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲାର ୫୦ଟି ସରକାରୀ ହାଇସ୍କୁଲର ରୂପାନ୍ତର କାର୍ଯ୍ୟ ଅକ୍ଟୋବର ସୁଦ୍ଧା କରାଯିବ ବୋଲି ନିଷ୍ପତ୍ତି ହୋଇଛି । ୫୦ଟି ହାଇସ୍କୁଲ ମଧ୍ୟରୁ ଏହି ସଚିବ ସ୍ତରୀୟ ଦଳ କିଞ୍ଜିରିମା ସରକାରୀ ହାଇସ୍କୁଲ ବୁଲି ଦେଖିଥିଲେ । ସ୍ମାର୍ଟ କ୍ଲାସରେ ବସି ଷ୍ଟୁଡିଓରେ ଥିବା ଶିକ୍ଷୟିତ୍ରୀ ଏବଂ ଅନ୍ୟ ଏକ କକ୍ଷରେ ବସି ପଢୁଥିବା ଛାତ୍ରଛାତ୍ରୀଙ୍କ ସହ ଭର୍ଚ୍ଚୁଆଲରେ କଥା ହୋଇଥିଲେ । ସ୍କୁଲର ବିଜ୍ଞାନଗାର, ଖେଳପଡିଆ ଓ ଅନ୍ୟାନ୍ୟ ଭିତ୍ତିଭୂମି ବୁଲି ଦେଖିବା ସହ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟର ତଦାରଖ କରିଥିଲେ ।

ସେହିପରି ସୁନ୍ଦରଗଡ ସଦର ଭବାନୀପୁରରେ ବାଲା ମଡେଲରେ ନିର୍ମିତ ଆଧୁନିକ ଅଙ୍ଗନବାଡୀ କେନ୍ଦ୍ର ପରିଦର୍ଶନ କରିଥିଲେ 5T ସଚିବ । ଛୋଟ ଛୋଟ ପିଲାଙ୍କ ଶିକ୍ଷାକୁ ଆନନ୍ଦମୟ କରିବା ପାଇଁ ବାଲା ମଡେଲରେ ସଂପୂର୍ଣ୍ଣ ନୂଆ ଢାଞ୍ଚାରେ ଅଙ୍ଗନବାଡୀ କେନ୍ଦ୍ର ତିଆରି କରାଯାଇଛି । ଏହାର ଆସବାବପତ୍ର ଓ କାନ୍ଥବାଡ ଠାରୁ ଆରମ୍ଭ କରି ସଂପୂର୍ଣ୍ଣ ପରିବେଶ ପିଲାଙ୍କ ଶିକ୍ଷା ପାଇଁ ଆକର୍ଷଣୀୟ କରାଯାଇଛି । ସୁନ୍ଦରଗଡ ଜିଲ୍ଲାରେ ଥିବା ସମସ୍ତ ଅଙ୍ଗନବାଡୀ କେନ୍ଦ୍ର ସହିତ ନୂଆ ଅଙ୍ଗନବାଡୀ କେନ୍ଦ୍ର ଗୁଡିକୁ ଏହି ବାଲା ମଡେଲରେ ନିର୍ମାଣ କରାଯାଉଛି । କାର୍ଯ୍ୟକ୍ରମରେ ସୁନ୍ଦରଗଡର ଜିଲ୍ଲାପାଳ, ଏସ୍‌.ପି ଓ ଜିଲ୍ଲା ଗ୍ରାମ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.