ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୪ତମ ପାଳି । ଭୁବନେଶ୍ୱର ୟୁନିଟ୍-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ମଣ୍ଡଳର ବରିଷ୍ଠ ମନ୍ତ୍ରୀଗଣ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ନିୟମିତ ଅଭିଯୋଗ ଶୁଣାଣି ଯୋଗୁ ବିଭିନ୍ନ କାରଣରୁ ସମସ୍ୟାରେ ଥିବା ଲୋକମାନେ ଆଶା ଓ ଭରସା ନେଇ ଆସୁଛନ୍ତି ଏବଂ ସେମାନଙ୍କ ସମସ୍ୟାର ସମାଧାନ ମଧ୍ୟ କରାଯାଉଛି । ଗତ ୧୩ଟି ପାଳିରେ ଗ୍ରହଣ କରାଯାଇଥିବା ୧୨,୨୫୨ଟି ଅଭିଯୋଗ ମଧ୍ୟରୁ ୧୦,୮୦୭ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୮୮ ପ୍ରତିଶତ ଅଟେ । ଅନ୍ୟ ଅଭିଯୋଗ ଗୁଡ଼ିକ ପ୍ରକ୍ରିୟା ମଧ୍ୟରେ ରହିଛି ।
ପ୍ରତିଥର ଭଳି ମୁଖ୍ୟମନ୍ତ୍ରୀ ପୂର୍ବାହ୍ନରେ ପ୍ରଥମେ ଆସି ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ବାହାରେ ଅପେକ୍ଷା କରିଥିବା ଦିବ୍ୟାଙ୍ଗ ଓ ଜଟିଳ ରୋଗରେ ପୀଡିତ ପ୍ରାୟ ୪୦ରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଜଣ ଜଣ କରି ଭେଟିଥିଲେ ଏବଂ ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହା ପରେ ପ୍ରକୋଷ୍ଠ ଭିତରେ ପଞ୍ଜିକୃତ କରିଥିବା ଅଭିଯୋଗକାରୀ ମାନଙ୍କ ଅଭିଯୋଗ ଶୁଣିଥିଲେ ।
ମୁଖ୍ୟମନ୍ତ୍ରୀ, ସାଧାରଣ ଲୋକଙ୍କ ସୁଖ ଦୁଃଖ ଶୁଣିବା ଏବଂ ସମସ୍ୟାର ସମାଧାନ ଉପରେ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି । ଆଜି ଆସିଥିବା ଅଭିଯୋଗକାରୀମାନଙ୍କ ମଧ୍ୟରେ କିଛି ଜଣ ନିଜ ନିଜ ସମସ୍ୟାକୁ ନେଇ ବିଚଳିତ ହେଉଥିବାରୁ, ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଭରସା ଓ ଆଶ୍ୱାସନା ଦେଇ ବୁଝାଇଥିଲେ ଏବଂ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଆଶ୍ୱାସନା ଭରା କଥାରେ ଚିନ୍ତିତ ଲୋକମାନଙ୍କ ମୁହଁରେ ଆଶାର କିରଣ ଦେଖାଦେଇଥିଲା ଏବଂ ସେମାନେ ଆଶ୍ୱସ୍ତ ହୋଇ ଫେରିଥିଲେ ।
ଆଜି ପ୍ରକୋଷ୍ଠ ମଧ୍ୟରେ ଗ୍ରହଣ କରାଯାଇଥିବା ସମସ୍ତ ଅଭିଯୋଗ ଗୁଡିକର ପ୍ରତିବିଧାନ ପାଇଁ ଉପସ୍ଥିତ ସମ୍ପୃକ୍ତ ବିଭାଗର ସଚିବମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମଣ୍ଡଳର ୮ ଜଣ ବରିଷ୍ଠ ମନ୍ତ୍ରୀ ଆଜି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସହାୟତା ପ୍ରଦାନ କରିଥିଲେ ।
ରାଜ୍ୟ ସରକାରଙ୍କ ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରାଜ୍ୟସ୍ତର ସହିତ ଜିଲ୍ଲାସ୍ତରରେ ମଧ୍ୟ ଅନୁଷ୍ଠିତ ହେଉଛି । ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଜରିଆରେ ଅନେକ ଲୋକଙ୍କର ବର୍ଷ ବର୍ଷ ଧରି ପଡି ରହିଥିବା ସମସ୍ୟାର ସମାଧାନ ହୋଇପାରୁଛି।
ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ବିଦ୍ୟାଳୟ ଓ ଗଣଶିକ୍ଷା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବସେବା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
Comments are closed.