ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ପକ୍ଷରୁ ଧାନ ସଂଗ୍ରହ ପଞ୍ଜୀକରଣ ଠାରୁ ଆରମ୍ଭ କରି ରେସନ କାର୍ଡ ଆବେଦନ ପର୍ଯ୍ୟନ୍ତ ସବୁ କାର୍ଯ୍ୟ ପାଇଁ ଅନଲାଇନ ବ୍ୟବସ୍ଥା ଆରମ୍ଭ କରାଯାଉଛି।
ଭିଡିଓ କନ୍ଫରେନ୍ସିଂ ଜରିଆରେ ଏହି କାର୍ଯ୍ୟର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ସ୍ବଚ୍ଛତା ଓ ଦକ୍ଷତା ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ବୋଲି ବର୍ଣ୍ଣନା କରିଛନ୍ତି ।
ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାର ଲୋକଙ୍କ ଖାଦ୍ୟ ସୁରକ୍ଷା ପାଇଁ ପ୍ରତିଶୃତିବଦ୍ଧ। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ସହିତ ରାଜ୍ୟ ସରକାର ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଏନଏଫଏସଏ ରୁ ବାଦ୍ ପଡିଥିବା ୨୫ ଲକ୍ଷ ଲୋକଙ୍କୁ ସାମିଲ କରିଛନ୍ତି। ସାରା ରାଜ୍ୟରେ ସାଢେ ତିନି କୋଟିରୁ ଅଧିକ ଲୋକ ଖାଦ୍ୟ ସୁରକ୍ଷାରେ ସାମିଲ ହୋଇଛନ୍ତି।
ସାରା ରାଜ୍ୟର ଲୋକ ଏହି ବିଭାଗ ସହିତ ସିଧାସଳଖ ଯୋଡି ହୋଇ ରହିଛନ୍ତି।
ଏହି ଅବସରରେ ଖାଦ୍ୟ ସୁରକ୍ଷା ଦିଗରେ ଗତ ୨୦ ବର୍ଷ ମଧ୍ୟରେ ଓଡିଶାରେ ଯେଉଁ ବ୍ୟାପକ ପରିବର୍ତ୍ତନ ଆସିଛି, ସେ ସଂପର୍କିତ ସମସ୍ତ ତଥ୍ୟ ସମ୍ବଳିତ ଏକ ପୁସ୍ତକ Making of a Food Secure Odisha କୁ ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଛନ୍ତି।
ସୂଚନାଯୋଗ୍ୟ ଯେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ପକ୍ଷରୁ ୪ଟି ସେବା ପାଇଁ ଅନ୍ଲାଇନ ବ୍ୟବସ୍ଥା ଆରମ୍ଭ କରାଯାଇଛି । ଏଗୁଡିକ ହେଲା – ଧାନ ବିକ୍ରୟ ପାଇଁ ଚାଷୀ ମାନଙ୍କ ପଞ୍ଜୀକରଣ, ରେସନ କାର୍ଡ ପାଇଁ ଆବେଦନ ଓ ସଂଶୋଧନ ଇତ୍ୟାଦି, ସୁଲଭ ମୂଲ୍ୟ ଦୋକାନ ପାଇଁ ଲାଇସେନ୍ସ ଫି ପ୍ରଦାନ ଏବଂ ସୁଲଭ ମୂଲ୍ୟ ଦୋକାନ ମାନଙ୍କ ଦ୍ବାରା ଖାଦ୍ୟଶସ୍ୟର ମୂଲ୍ୟ ପ୍ରଦାନ ।
ଏସବୁ ସୁବିଧା ଗୁଡିକ www.foododisha.in ରେ Cetizen Services ଲିଙ୍କ୍ ରେ ମିଳିପାରିବ।
ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍.କେ. ଶର୍ମା, କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗ, ଅର୍ଥ ବିଭାଗର ପ୍ରମୁଖ ସଚିବ ଏ.କେ ମୀନା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।
Comments are closed.