ଭୁବନେଶ୍ବର : ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ନିୟୋଜିତ ଶ୍ରମିକମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିରେ ଏପ୍ରିଲରୁ ଜୁନ ମାସ ପର୍ଯ୍ୟନ୍ତ ଏହି ତିନି ମାସ ମଧ୍ୟରେ କାମ କରିଥିବା ଶ୍ରମିକ ମାନଙ୍କୁ ସେମାନଙ୍କର ପ୍ରତ୍ୟେକ ଦିନର ମଜୁରି ସହିତ ଆଉ ଅତିରିକ୍ତ ୫୦ ଟଙ୍କା ପ୍ରଦାନ କରାଯାଇଛି । ଏହା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି । ଏହାଦ୍ବାରା ପ୍ରତ୍ୟେକ ଶ୍ରମିକ ୪୫୦୦ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ମଜୁରୀ ପାଇଛନ୍ତି । ରାଜ୍ୟର ମୋଟ ୩୨ ଲକ୍ଷ ଶ୍ରମିକଙ୍କୁ ୩୫୨ କୋଟି ଟଙ୍କାର ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗରିବ ଲୋକଙ୍କ ପାଇଁ ମୋ ହୃଦୟରେ ସବୁବେଳେ ସ୍ଵତନ୍ତ୍ର ସ୍ଥାନ ରହିଛି । ଗରିବ ଲୋକଙ୍କ କାର୍ଯ୍ୟକ୍ରମ ମୋତେ ଅଧିକ ସନ୍ତୋଷ ଦେଇଥାଏ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ । ଏବଂ ଆଜିର ଏହି ସହାୟତା ସେମାନଙ୍କ ପରିବାରର ଆର୍ଥିକ ଅସୁବିଧା ଦୂର କରିବାରେ ସହାୟକ ହେବ ବୋଲି ଆଶା ପ୍ରକାଶ କରିଥିଲେ । ଗରିବ ଲୋକଙ୍କ ପାଇଁ ଏପରି ଉଦ୍ୟମ ଜାରି ରହିବ ବୋଲି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଜିଲ୍ଲା ସ୍ତରରେ ଅଧିକ ଶ୍ରମଦିବସ ସୃଷ୍ଟି କରି ଗରିବ ଲୋକଙ୍କୁ ରୋଜଗାର ଦେବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
କୋଭିଡର ଦ୍ଵିତୀୟ ଲହରରେ ଗରିବ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ୧୬୯୦ କୋଟି ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏଥିରେ ଶ୍ରମିକ ମାନଙ୍କ ପାଇଁ ମଧ୍ୟ ୩୫୨ କୋଟି ଟଙ୍କାର ସହାୟତା ରହିଛି । ମନରେଗାରେ ଗତବର୍ଷ ୨୦ କୋଟି ଶ୍ରମ ଦିବସ ସୃଷ୍ଟି ହୋଇଥିବା ବେଳେ, ଚଳିତ ବର୍ଷ ଏ ପର୍ଯ୍ୟନ୍ତ ୭ କୋଟି ଶ୍ରମ ଦିବସ ସୃଷ୍ଟି ହୋଇ ପାରିଛି ଏବଂ ବର୍ଷ ଶେଷ ସୁଧା ୨୫ କୋଟି ଶ୍ରମ ଦିବସ ସୃଷ୍ଟି ପାଇଁ ଲକ୍ଷ୍ୟ ରଖାଯାଇଛି ।
ଗତ ଏକ ବର୍ଷ ଧରି କୋଭିଡ ଲଢେଇ ମଧ୍ୟରେ ଲକଡାଉନ, ସଟଡାଉନ ଯୋଗୁଁ ଗରିବ ଲୋକଙ୍କ ରୋଜଗାର କମିଛି । ତେଣୁ ଲୋକଙ୍କ ଜୀବିକା ଉପରେ ଧ୍ୟାନ ଦେଇ ରାଜ୍ୟ ସରକାର ଚାଷୀ, ଶ୍ରମିକ, ଦୁଗ୍ଧ ଚାଷୀ, ଉଠା ଦୋକାନୀ ସମସ୍ତଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି । ଏହି ଅବସରରେ ଗରିବ, କୃଷକ ଶ୍ରମିକ ମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା । କାର୍ଯ୍ୟକ୍ରମରେ ରାଜ୍ୟର ୩୧୪ଟି ବ୍ଲକର ମନରେଗା ଶ୍ରମିକ ମାନେ ଭିଡିଓ କନଫରେନସିଂରେ ଯୋଡି ହୋଇଥିଲେ ।
Comments are closed.