Latest Odisha News

BREAKING NEWS

ରାଜ୍ୟରେ ୬୩ହଜାର ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଖୁସି ଖବର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି । ଏହାଦ୍ୱାରା ରାଜ୍ୟର ୬୩ହଜାର ୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇବେ ।

ଏଥିସହ ଉଚ୍ଚ ପ୍ରାଥମିକସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ଏବଂ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକସ୍ତରରେ ପ୍ରଧାନ ଶିକ୍ଷକ ପଦବୀଗୁଡିକ ମଧ୍ୟ ପୂରଣ ହୋଇପାରିବ । ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ୱାରା ପ୍ରାଥମିକ ବିଦ୍ୟାଳୟଗୁଡିକର ପରିଚାଳନାରେ ଉନ୍ନତି ଆସିବ । ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ ୫(ଏ) ସ୍ତରରେ ଥିବା ୨୯ହଜାର ୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ । ୫(ବି) ସ୍ତରରେ ଥିବା ୨୯ହଜାର ୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ । ଏହାସହିତ ଲେଭେଲ ଓଠରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-୩ କୁ ପଦୋନ୍ନତି ପାଇବେ ।

ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକଙ୍କ ପାଇଁ ରେସିଡେନ୍ସୀ ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡେନ୍ସୀ ପିରିୟଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି ।

୨୦୧୯ରେ ପ୍ରାଥମିକ ଶିକ୍ଷକଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ ଟି ପଦବୀ ସୃଷ୍ଟି କରାଯାଇଥିଲା । ଲେଭେଲ-୩ ରେ ଥିବା ୯୩୦୫ଟି ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା ।

Leave A Reply

Your email address will not be published.