Latest Odisha News

ସ୍ମାର୍ଟ ହେଲା କ୍ଲାସ ରୁମ୍, ୫୦ଟି ସ୍କୁଲର ହେଲା ରୂପାନ୍ତରଣ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ । 5T ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୧୦ଟି ରୂପାନ୍ତରିତ ସ୍କୁଲକୁ ଆଜି ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ । ଯୋଗ ଦେଇଥିଲେ ମନ୍ତ୍ରୀ, ବିଧାୟକ, ସରପଞ୍ଚ, ପଞ୍ଚାୟତ ସଦସ୍ୟ, ସ୍କୁଲର ପୁରାତନ ଓ ବର୍ତ୍ତମାନର ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ବାସିନ୍ଦା ।

କାର୍ଯ୍ୟକ୍ରମକୁ ଭର୍ଚୁଆଲରେ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରତି ପିଲା ହେଉଛି ଅନନ୍ତ ସମ୍ଭାବନାର ପ୍ରତୀକ । ତାର ସୁନ୍ଦର ଭବିଷ୍ୟତ ପାଇଁ ତା ଆଖିରେ ଥାଏ ଅନେକ ସ୍ବପ୍ନ । ଏହି ସ୍ବପ୍ନକୁ ସାକାର କରିବା ପାଇଁ ରୂପାନ୍ତରଣ ଆଣିଛି ସୁଯୋଗ । ପିଲାଙ୍କ ସ୍ବପ୍ନ ସାକାର ହେଲେ ପୂରଣ ହେବ ନୂଆ ଓଡ଼ିଶା । ଏହି ରୂପାନ୍ତରକୁ ନୂଆ ଓଡିଶାର ଭିତ୍ତି ଭାବେ ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଛନ୍ତି ।

ପିଲାମାନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍କୁଲ ହେଉଛି ସମସ୍ତଙ୍କ ଜୀବନର ଶ୍ରେଷ୍ଠ ସମୟ । ଏହି ରୂପାନ୍ତର ତୁମ ମାନଙ୍କ ପାଇଁ । ତୁମମାନଙ୍କ ଭବିଷ୍ୟତ ପାଇଁ ଏବଂ ତୁମମାନଙ୍କୁ ଶ୍ରେଷ୍ଠ ଗଢିବା ପାଇଁ ଏହା ଅନେକ ସୁଯୋଗ ସୃଷ୍ଟି କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟକୁ ବାଟ ଦେଖାଇଛି । ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୧୦୭୦ ସ୍କୁଲର କାୟାକଳ୍ପ ହେବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ରୂପାନ୍ତରଣ ହୋଇଥିବା ସ୍କୁଲର ଯତ୍ନ ନିଜ ସଂପତ୍ତି ପରି ନେବା ପାଇଁ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.