ଭୁବନେଶ୍ୱର: ବାତ୍ୟା ‘ଅସାନି’ ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ନାହିଁ। କିନ୍ତୁ ଏହାର ପ୍ରଭାବରେ ମେ ୧୦ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି ଯେ, ବାତ୍ୟାର ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମେ’ ୧୦ ସନ୍ଧ୍ୟାରୁ ବର୍ଷା ଆରମ୍ଭ ହେବ। ମୁଖ୍ୟତଃ ଗଞ୍ଜାମ, ଗଜପତି ଓ ପୁରୀ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ମଧ୍ୟରେ ସର୍ବାଧିକ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ୧୧ ତାରିଖରେ ୫ଟି ଜିଲ୍ଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ ରହିଛି। ତେଣୁ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୧୧ରୁ ୨୦ ସେଣ୍ଟିମିଟର ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ପାରାଦୀପ, ଗୋପାଳପୁର, ଧାମରା ଓ ପୁରୀର ୪ଟି ବନ୍ଦରରେ ଏକ ନମ୍ବର ବିପଦ ସଙ୍କେତ ରହିଛି। ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ବୋଲି ଉମାଶଙ୍କର ଦାସ କହିଛନ୍ତି।
ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ ୧୦ ଓ ୧୧ ତାରିଖରେ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅସାନି ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୪ କିଲୋମିଟର ବେଗରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି । ଏବେ ଏହା ପୁରୀର ଦକ୍ଷିଣ-ଦକ୍ଷିଣପୂର୍ବରେ ୮୮୦ କିଲୋମିଟର ଦୂରରେ ରହିଛି ।
Comments are closed.