Latest Odisha News

ଦିନେ କର୍ମଚାରୀଙ୍କୁ ଦରମା ଦେବାକୁ ସରକାରଙ୍କ ପାଖେ ଟଙ୍କା ନଥିଲା, ଏବେ ଅର୍ଥନୀତି ବଦଳିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାର ଅର୍ଥନୀତିକୁ ନେଇ ମୁଖ୍ୟମନ୍ତ୍ରୀ ବଡ଼ କଥା କହିଛନ୍ତି । ୨୨ ବର୍ଷ ତଳ କଥା ମନେପକାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡ଼ିଶାରେ ଦିନେ କଳା ସମୟ ଥିଲା । ମହାବାତ୍ୟା ପରେ ସେ ଯେବେ ସରକାର ଗଠନ କରିଥିଲେ ସେତେବେଳେ  ସରକାରୀ କର୍ମଚାରୀଙ୍କୁ ଦରମା ଦେବା ପାଇଁ ଅର୍ଥ ନିଅଣ୍ଟ ହେଉଥିଲା । ଆଉ ଆଜି ସେପରି ଦିନ ନାହିଁ । ଏବେ ଓଡ଼ିଶାର ଅର୍ଥନୀତି ବଦଳିଛି । ଏବେ କର୍ମଚାରୀମାନଙ୍କୁ ଠିକ୍ ସମୟରେ ଦରମା ଦିଆଯାଉଛି । ଓଡ଼ିଶାର ଅର୍ଥନୀତି ବଦଳିଛି ।

ମୁଖ୍ୟମନ୍ତ୍ରୀ କହିଛନ୍ତି  ‘‘୨୦୦୦ ମସିହାରେ ମୁଁ ଓଡିଶା ମା’ର ସେବାର ସୁଯୋଗ ପାଇଥିଲି। ମହାବାତ୍ୟା ପର ସ୍ଥିତି ଓ ଦୁର୍ବଳ ଆର୍ଥିକ ଅବସ୍ଥା ମୋ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ଥିଲା । ରାଜ୍ୟ ଓଭର ଡ୍ରାଫ୍ଟରେ ଚାଲୁଥିଲା। ନିତି ଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା । ଓଡିଶା ଅର୍ଥନୀତି ପାଇଁ ଏହା ଏକ କଳା ସମୟ ଥିଲା । ରାଜକୋଷ ଖାଲି ଥିଲା। ଅର୍ଥନୀତି ଉପରେ ବହୁତ ଚାପ ଥିଲା। ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷି, ଜଳସେଚନ ଆଦି ବିଭିନ୍ନ କ୍ଷେତ୍ରରେ ଆମେ ବହୁତ ପଛୁଆ ଥିଲୁ । ବନ୍ୟା  ବାତ୍ୟା ମରୁଡି  ଲାଗି ରହି ଥିଲା ଗରିବୀ  ବହୁ  ଅଧିକ  ଥିଲା । ସୀମିତ ସମ୍ବଳ ଭିତରେ ଏସବୁ କ୍ଷେତ୍ରରେ ଉନ୍ନତି ଆଣିବା ଥିଲା ଆମ ପାଇଁ ସବୁଠାରୁ ବଡ ପ୍ରାଥମିକତା’’ ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ‘‘ସେତେବେଳେ  ନିଯୁକ୍ତି ପୁରାପୁରି ବନ୍ଦ ଥିଲା । ପୋଷ୍ଟ ସବୁ ଉଚ୍ଛେଦ କରିବାକୁ ପଡୁଥିଲା । ଏହା ମୋ ପାଇଁ  ବହୁତ  କଷ୍ଟକର ଥିଲା। ମୋ ରାଜ୍ୟର ପିଲାମାନେ ନିଯୁକ୍ତି ନ ପାଇ ହଇରାଣ ହେଉଥିଲେ। ଏହା ମୋତେ ବହୁତ ଦୁଃଖ ଦେଉଥିଲା । ପ୍ରତିଦିନ ମୋ ମନରେ ଚିନ୍ତା ଥିଲା, କେବେ ପରିସ୍ଥିତିରେ ଉନ୍ନତି ଆସିବ ଏବଂ ଆମ ପିଲାମାନେ ରେଗୁଲାର ନିଯୁକ୍ତି ପାଇବେ ?’’

ଏହା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି ‘‘ଉତ୍ତମ ଆର୍ଥିକ ପରିଚାଳନା ଓ ସୁଶାସନ ଜରିଆରେ ହିଁ ଧିରେ ଧିରେ ପରିସ୍ଥିତିରେ ଉନ୍ନତି ଆସିଲା । ୨୦୧୩ରୁ ଆମେ ଚୁକ୍ତିଭିତ୍ତିକ ନିଯୁକ୍ତି ଆରମ୍ଭ କଲୁ । ଏହା ମଧ୍ୟ ମୋ ପାଇଁ ଏକ କଷ୍ଟକର ନିଷ୍ପତ୍ତି ଥିଲା। ଏବେ ଆମ ଅର୍ଥନୀତିରେ ଉନ୍ନତି ଆସିଛି । ବିକାଶ କ୍ଷେତ୍ରରେ ଓଡିଶା ସାରା ଦେଶରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି । ଗତ ବର୍ଷ ଆମେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତିକୁ ପରିବର୍ତ୍ତନ କରି ଇନିସିଆଲ ଆପଏଣ୍ଟି କରିଥିଲୁ । ଆଜି ମୁଁ ଖୁସିର ସହ ଘୋଷଣା କରୁଛି ଯେ ଆଜି ରାଜ୍ୟ କ୍ୟାବିନେଟ ଚୁକ୍ତିଭିତ୍ତିକ ନିଯୁକ୍ତି  ବ୍ୟବ୍ୟସ୍ଥାକୁ ସବୁଦିନ ପାଇଁ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏବେ ବି ଅନେକ ରାଜ୍ୟରେ ନିୟମିତ ନିଯୁକ୍ତି ବନ୍ଦ ଅଛି ।  ଚୁକ୍ତିଭିତ୍ତିକ ନିଯୁକ୍ତି ଚାଲିଛି।  ଓଡିଶାରେ ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହେଲା। ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ  ହେବ । ବହୁ ଦିନ ଧରି ଏ ସୁଦିନକୁ ମୁଁ ଅପେକ୍ଷା କରିଥିଲି।  ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବ।   ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ ।  ଏଥିପାଇଁ  ହାରାହାରି 13୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ।   ସେମାନଙ୍କ ପରିବାର ପାଇଁ ଏହା ଆଗୁଆ ଦୀପାବଳି ଆଣିଛି।   ଆଜି ଓଡିଶା ଆତ୍ମବିଶ୍ବାସର ସହ ଆଗକୁ ବଢୁଛି । ସଶକ୍ତ ହେଉଛି। ଓଡିଶା ଇତିହାସର ଏହା ଏକ ସୁବର୍ଣ୍ଣ ମୁହୂର୍ତ୍ତ ’’। ରାଜ୍ୟ କ୍ୟାବିନେଟ ଚୁକ୍ତିଭିତ୍ତିକ ନିଯୁକ୍ତି  ବ୍ୟବ୍ୟସ୍ଥାକୁ ସବୁଦିନ ପାଇଁ ଉଚ୍ଛେଦ କରି ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ କରିବା ପାଇଁ ନିଷ୍ପତ୍ତି ନେବା ଅବସରରେ ମୁଖ୍ୟମନ୍ତ୍ରୀ ଏପରି କହିଛନ୍ତି ।

Comments are closed.