Latest Odisha News

BREAKING NEWS

ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡିଆ ମାଧ୍ୟମ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ

ଭୁବନେଶ୍ୱର: ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ ।  ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। 5T ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଥିବା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।

ଆଗାମୀ ଶିକ୍ଷାବର୍ଷ ୨୦୨୪-୨୫ରୁ ଏହି ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ  ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡିଆ ମାଧ୍ୟମ ବିଦ୍ୟାଳୟରେ ପଢୁଥିବା ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ମାଗଣା ପାଠ୍ୟପୁସ୍ତକ ରାଜ୍ୟ ସରକାର ଯୋଗାଇ ଦେବେ। ଏହି ଯୋଜନାରେ ସରକାର କେବଳ ଓଡ଼ିଆ ସାହିତ୍ୟ ଏବଂ ଓଡ଼ିଆ ଭାଷା ବିଷୟ ପୁସ୍ତକ ମାଗଣାରେ  ଯୋଗାଇବେ । ଏହା ଦ୍ୱାରା ରାଜ୍ୟର ୩୬୨୦ଟି ଘରୋଇ ତଥା ଅଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ୯ କୋଟି ୪୩ ଲକ୍ଷ ଟଙ୍କା ବାର୍ଷିକ ଖର୍ଚ୍ଚ କରିବେ।

ସୂଚନାଯୋଗ୍ୟ ଯେ, ଘରୋଇ ଓଡିଆ ମାଧ୍ୟମ ବିଦ୍ୟାଳୟମାନଙ୍କରେ ପାଠ ପଢୁଥିବା ପିଲାମାନେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବା ସହିତ ବିଭିନ୍ନ କ୍ଷେତ୍ରରେ ସେମାନଙ୍କର ଦକ୍ଷତା ମଧ୍ୟ ପ୍ରତିପାଦନ କରିଆସୁଛନ୍ତି। ରାଜ୍ୟ ସରକାର ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମାଗଣା ପାଠ୍ୟପୁସ୍ତକ ଯୋଗାଇବା ସହ ପଶ୍ଚିମବଙ୍ଗ, ଝାଡଖଣ୍ଡ, ଆନ୍ଧ୍ରପ୍ରଦେଶ ଓ ଗୁଜୁରାଟ ଆଦି ରାଜ୍ୟମାନଙ୍କରେ ଥିବା ଓଡିଆ ପିଲାମାନଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଆସୁଛନ୍ତି । ତେଣୁ ରାଜ୍ୟରେ ଥିବା ଘରୋଇ ଓ ଅଣଅନୁଦାନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଏହି ସୁବିଧା ଯୋଗାଇ ଦେବା ଲାଗି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି   ।

Comments are closed.