ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ଆଜି ନୂଆଦିଲ୍ଲୀଠାରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନକଡଙ୍କୁ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି। ଏହି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଉଭୟ ରାଷ୍ଟ୍ରପତି ଓ ଉପ ରାଷ୍ଟ୍ରପତିଙ୍କୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରା ଦେଖିବା ପାଇଁ ଓଡ଼ିଶା ଆସିବାକୁ ଅନୁରୋଧ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମଧ୍ୟ ସାକ୍ଷାତ କରି ଆଲୋଚନା କରିଛନ୍ତି। ଶପଥ ଗ୍ରହଣ ଉତ୍ସବକୁ ପ୍ରଧାନମନ୍ତ୍ରୀ ନିଜେ ଆସି ଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଜଣାଇବା ସହ କୃତଜ୍ଞତା ପ୍ରକାଶ କରିଥିଲେ। ଆଗାମୀ ଦିନରେ ଓଡ଼ିଶା ଗସ୍ତ କରିବାକୁ ସେ ପ୍ରଧାନ ମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲେ।
ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସିଥାରମଣ, ସଡ଼କ ପରିବହନ ମନ୍ତ୍ରୀ ଶ୍ରୀ ନୀତିନ ଗଡକରୀ ଏବଂ ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମଧ୍ୟ ସାକ୍ଷାତ କରି ଆଲୋଚନା କରିଛନ୍ତି।
ଆଲୋଚନାରେ ଏକ ବିକଶିତ ଓଡିଶା ଗଠନ ପାଇଁ ରୋଡ ମ୍ୟାପ ପ୍ରସ୍ତୁତ କରିବା ଉପରେ ଗୁରୁତ୍ବ ଦିଅ ଯାଇଥିଲା। ୨୦୩୬ ରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରୁଥିବାରୁ ତାକୁ ଦୃଷ୍ଟିରେ ରଖି ରୋଡ ମ୍ୟାପ ପ୍ରସ୍ତୁତ କରିବା ସମ୍ପର୍କରେ ଆଲୋଚନା ହୋଇଥିଲା। ମୁଖ୍ୟମନ୍ତ୍ରୀ ଏହି ସବୁ କେନ୍ଦ୍ର ମନ୍ତ୍ରୀ ମାନଙ୍କୁ ରଥ ଯାତ୍ରା ପାଇଁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିଥିଲେ।
Comments are closed.