Latest Odisha News

ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ: ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା । ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆସନ୍ତାକାଲି ଯାଏଁ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ଶୁକ୍ରବାର ସୁଦ୍ଧା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଝାଡ଼ଖଣ୍ଡ, ଛତିଶଗଡ଼ ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ଗାଙ୍ଗେୟ ପଶ୍ଚିମବଙ୍ଗର ସ୍ଥଳଭାଗ ଉପରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଜାରି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସୁନ୍ଦରଗଡ଼, ଅନୁଗୋଳ, ଦେବଗଡ଼,କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼ ଏବଂ କେନ୍ଦୁଝର ଆଦି ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରି ରହିଛି। ଏହି ସ୍ଥିତି ୩ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତ୍‌ସିଂହପୁର, ବାଲେଶ୍ବରରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.