Latest Odisha News

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ଯାହାକୁ ନେଇ ଆଜି ରାଜ୍ୟର ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହି ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ସମ୍ୱଲପୁର, କେନ୍ଦୁଝର । ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି ।

ତେବେ ୪ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ ସୁନ୍ଦରଗଡରୁ ସମ୍ବଲପୁର ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶା ଏବଂ ଛତିଶଗଡରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ତାରିଖ ସନ୍ଧ୍ୟାରୁ ରାଜ୍ୟରେ ବର୍ଷା ପରିମାଣ ଆହୁରି ବଢ଼ିପାରେ । ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରୀଣରେ ୮ ତାରିଖ ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି ।

ଗତ ୨୪ ଘଣ୍ଟା ଭିତରେ ସୁନ୍ଦରଗଡ, କଟକ, କୋରାପୁଟ, କେନ୍ଦୁଝର, କେନ୍ଦ୍ରାପଡା, ସମ୍ବଲପୁର ଏବଂ ଭଦ୍ରକରେ ବର୍ଷା ହୋଇଛି ।

Comments are closed.