Latest Odisha News

‘ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୁକସାକ୍ଷୀ’

ଭୁବନେଶ୍ୱର: ଆଜି ଭୁବନେଶ୍ୱର ଠାରେ ଆୟୋଜିତ ‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଅଭିଯାନ ଆମ ସମସ୍ତଙ୍କୁ ଦେଶ ପ୍ରେମର ସୂତ୍ରରେ ବାନ୍ଧି ରଖିବାରେ ସଫଳ ହେଉଛି ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ଜାତୀୟ ପତାକା ଆମ ଦେଶ ତଥା ପ୍ରତ୍ୟେକ ଦେଶବାସୀଙ୍କ ପାଇଁ ବହୁ ସମ୍ମାନ ଓ ଗୌରବ ବହନ କରିଥାଏ । ଏହା ହେଉଛି ଆମ ଦେଶର ପ୍ରତୀକ । ଆମ ଜାତୀୟ ପତାକା ତ୍ରିରଙ୍ଗା । ତ୍ରିରଙ୍ଗାର ତିନି ରଙ୍ଗ ଆମକୁ ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଆଦର୍ଶରେ ଅନୁପ୍ରାଣିତ କରିଥାଏ । ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୁକସାକ୍ଷୀ ଅଟେ । ଏହା ମଧ୍ୟ ରାଷ୍ଟ୍ରୀୟ ଏକତା, ସହିଷ୍ଣୁତା ଓ ବନ୍ଧୁତ୍ବର ପ୍ରତୀକ ଅଟେ । ପ୍ରତ୍ୟେକ ଦେଶବାସୀ ଆମ ଜାତୀୟ ପତାକାକୁ ନେଇ ଗର୍ବ ଅନୁଭବ କରିଥାନ୍ତି ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ୨୦୨୨ ଅଗଷ୍ଟ ୧୫ ତାରିଖରେ ସ୍ବାଧୀନତାର ୭୫ତମ ପୂର୍ତ୍ତି ପାଳନ ଓ ‘ଆଜାଦୀ କା ଅମୃତ ମହୋତ୍ସବ’ ଅବସରରେ ଭାରତ ସରକାରଙ୍କ ପକ୍ଷରୁ ଆମ ଜାତୀୟ ପତାକାର ସମ୍ମାନାର୍ଥେ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କରାଯାଇଥିଲା । ପ୍ରତି ବର୍ଷ ସ୍ବାଧୀନତା ଦିବସ ପାଳନର କିଛି ଦିନ ପୂର୍ବରୁ ଦେଶବାସୀଙ୍କ ମନରେ ଜାତି ପ୍ରେମକୁ ଜାଗ୍ରତ କରିବା ଉଦ୍ଦେଶ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆୟୋଜିତ ହେଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଆହ୍ବାନରେ ଦେଶର କୋଣ ଅନୁକୋଣରେ ରହୁଥିବା ପ୍ରତ୍ୟେକ ଭାରତୀୟ ଏହି ଅଭିଯାନରେ ସାମିଲ ହୋଇ ଘରେ ଘରେ ଆମ ଜାତୀୟ ପତାକା ତ୍ରିରଙ୍ଗା ଉଡାଇ ଦେଶପ୍ରେମର ନିଦର୍ଶନ ପ୍ରତିଫଳିତ କରୁଛନ୍ତି ।

ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଠାରୁ ମୁକ୍ତେଶ୍ୱର ମନ୍ଦିର ପର୍ଯ୍ୟନ୍ତ ‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସମେତ ରାଜ୍ୟ ସରକାରଙ୍କର ଅନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ହଜାର ହଜାର ଜନସାଧାରଣ ଯୋଗ ଦେଇଥିଲେ ।

Comments are closed.