Latest Odisha News

BREAKING NEWS

Dev Deepabali Ritual: ଆଜିଠୁ ଶ୍ରୀମନ୍ଦିରରେ ୩ ଦିନ ବ୍ୟାପୀ ଚାଲିବ ଦେବଦୀପାବଳି ନୀତି

ପୁରୀ: ଆଜିଠାରୁ ତିନିଦିନ ବ୍ୟାପୀ ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ । ତିନିଦିନ ମହାପ୍ରଭୁ ଶ୍ରାଦ୍ଧବେଶରେ ଵିଭୂଷିତ ହେବେ । ମାର୍ଗଶୀର ମାସ କୃଷ୍ଣପକ୍ଷ ଚତୁର୍ଦଶୀ,ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି । ଆଜି ଅର୍ଥାତ ପ୍ରଥମ ଦିନରେ ମହାପ୍ରଭୁ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପ ଦାନ ଓ ଶ୍ରାଦ୍ଧ ଦେଇଥାନ୍ତି ମହାପ୍ରଭୁ ।

ସେହିପରି ଦ୍ଵିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ଧେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେବେ । ଆଉ ତୃତୀୟ ଦିନ ଅର୍ଥାତ ପ୍ରତିପଦା ତିଥିରେ ମହାପ୍ରଭୁ ଦେବକୀ, ବାସୁଦେବ, ନନ୍ଦ, ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀ ଦୀପଦାନ କରିବା ସହ ଶ୍ରାଦ୍ଧ ତର୍ପଣ ଦେବାର ପରମ୍ପରା ରହିଛି ।

ସାଧାରଣ ହିନ୍ଦୁମାନେ ଯେପରି କାର୍ତ୍ତିକ ଅମାବାସ୍ୟା ତିଥି ଦୀପାବଳି ଦିନ ନିଜ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣାଦି କରି ଦୀପଦାନ କରିଥାନ୍ତି ଠିକ ସେହିପରି ମହାପ୍ରଭୁ ଜଗନ୍ନାଥ ମାର୍ଗଶିର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ଶୁକ୍ଳ ପ୍ରତିପଦା ତିଥିରେ ତିନିଦିନ ଧରି ପିତୃଗଣଙ୍କୁ ଶ୍ରାଦ୍ଧ ପ୍ରଦାନ ପୂର୍ବକ ଦୀପଦାନ କରିଥାନ୍ତି । ତେଣୁ ଏହାକୁ ଦେବଦୀପାବଳି କୁହାଯାଏ ।

Comments are closed.