ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପିପିଲି ତହସିଲ ଅନ୍ତର୍ଗତ ଜଗନ୍ନାଥପୁର ମୌଜାରେ ୫ ଏକରରୁ ଅଧିକ ଜମି ଉପରେ ଏକ ଅତ୍ୟାଧୁନିକ ‘ପିପିଲି ଚାନ୍ଦୁଆ ହସ୍ତଶିଳ୍ପ ହବ୍’ ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି। ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ପ୍ରାୟ ୮୦ କୋଟି ଟଙ୍କା ବିନିଯୋଗରେ ଏହି ପ୍ରକଳ୍ପ ନିର୍ମାଣ କରାଯିବ।
ସୂଚନାଥାଉକି, ପାଞ୍ଚ ମହଲା ବିଶିଷ୍ଟ ନିର୍ମାଣ ହେବାକୁ ଥିବା ଏହି ସମନ୍ୱିତ “କ୍ରାଫ୍ଟ, କଲ୍ଚର ଆଣ୍ଡ ଟୁରିଜମ୍ ହବ୍”ରେ ୫୦ଟି ବ୍ୟବସାୟିକ ଦୋକାନ, ୬ଟି ସରକାରୀ ସୋ-ରୁମ୍, ଲାଇଭ୍ ଡେମୋନଷ୍ଟ୍ରେସନ୍ କେନ୍ଦ୍ର, ଟ୍ରେନିଂ ସେଣ୍ଟର, ଅଡିଓ-ଭିଜୁଆଲ୍ ଗ୍ୟାଲେରୀ, ମୁକ୍ତ ଆକାଶ ରଙ୍ଗମଞ୍ଚ, ଓଡ଼ିଆ ଫୁଡ୍ କୋର୍ଟ ଭଳି ସମସ୍ତ ଅତ୍ୟାଧୁନିକ ସୁବିଧା ରହିବ।
ଏଠାରେ ଚାନ୍ଦୁଆ ସମେତ ଓଡ଼ିଶାର ସମସ୍ତ ୬୪ଟି ଅନୁମୋଦିତ ହସ୍ତଶିଳ୍ପ ଏବଂ ୬ଟି ଜି.ଆଇ. ମାନ୍ୟତାପ୍ରାପ୍ତ କଳାର ପ୍ରଦର୍ଶନ ଓ ବିକ୍ରୟ କରାଯିବ।
ଏହି ଅବସରରେ ପିପିଲି ବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ପ୍ରକଳ୍ପ ଦ୍ୱାରା ପିପିଲି ଓ ଆଖପାଖ ଅଞ୍ଚଳର ୬ ହଜାରରୁ ଅଧିକ କାରିଗର ସିଧାସଳଖ ଉପକୃତ ହେବେ। କାରିଗରମାନଙ୍କୁ ସୁଲଭ ମୂଲ୍ୟରେ କଞ୍ଚାମାଲ ଯୋଗାଇବା ପାଇଁ ଏଠାରେ ଏକ ‘Raw Material Bank’ ସ୍ଥାପନ କରାଯିବ। ଏହାସହ ଇ-କମର୍ସ ଯୁଗକୁ ଲକ୍ଷ୍ୟ କରି କାରିଗର, ବିଶେଷ କରି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (WSHG)ର ମାଆ ଓ ଭଉଣୀମାନଙ୍କୁ ଡିଜିଟାଲ୍ ମାର୍କେଟିଂ ଏବଂ ପ୍ୟାକେଜିଂର ପ୍ରଶିକ୍ଷଣ ଦିଆଯାଇ ସଶକ୍ତ କରାଯିବ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ଭୋକାଲ ଫର ଲୋକାଲ’ ମନ୍ତ୍ରରେ ଅନୁପ୍ରାଣିତ ହୋଇ ପିପିଲି ଚାନ୍ଦୁଆକୁ ବିଶ୍ୱ ବଜାର ସହ ଯୋଡ଼ିବା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।
୨୦୩୬ ଓଡ଼ିଶା ଗଠନର ଶତବାର୍ଷିକୀ ଓ ୨୦୪୭ ସ୍ୱାଧୀନତାର ଶତବର୍ଷ ପୂର୍ତ୍ତିକୁ ଆଖି ଆଗରେ ରଖି ଏକ ସମୃଦ୍ଧ ଓ ବିକଶିତ ଓଡ଼ିଶା ଗଠନ ଦିଗରେ ଏହି ହବ୍ ଏକ ମାଇଲଖୁଣ୍ଟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଶିଷ୍ଟ ଚାନ୍ଦୁଆ ଶିଳ୍ପୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ସମ୍ମାନିତ କରିଥିଲେ।