Latest Odisha News

BREAKING NEWS

ପ୍ରବଳ ବର୍ଷା ନେଇ କଟକ ଜିଲ୍ଲା ପାଇଁ ‘ଅରେଞ୍ଜ ୱାର୍ଣ୍ଣିଂ’ ଜାରି, ଆସନ୍ତାକାଲି ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ

କଟକ: ସାରା ରାଜ୍ୟରେ ବର୍ତ୍ତମାନ ବର୍ଷାର ପ୍ରକୋପ ଜାରି ରହିଛି । ପ୍ରବଳ ବର୍ଷା ଯୋଗୁଁ କେତେକ ସ୍ଥାନରେ ଜଳବନ୍ଦୀ ସମସ୍ୟା ଉପୁଜୁଥିବା ଦେଖିବାକୁ ମିଳିଛି । ତେବେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କଟକ ଜିଲ୍ଲା ପାଇଁ ‘ଅରେଞ୍ଜ ୱାର୍ଣ୍ଣିଂ’ ଜାରି କରାଯାଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଏବଂ ମହାନଦୀ ଓ ଏହାର ଶାଖା ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ହେବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ପାଇଁ କଟକ ଜିଲ୍ଲାପାଳ ଏକ ଜରୁରୀକାଳୀନ ନିର୍ଦ୍ଦେଶନାମା ଜାରି କରିଛନ୍ତି ।

ଆସନ୍ତାକାଲି ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ, କଲେଜ ଏବଂ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ସମ୍ପୂର୍ଣ୍ଣ ବନ୍ଦ ରହିବ । କେବଳ ସେତିକି ନୁହେଁ ମହାନଦୀ ଏବଂ ଏହାର ଶାଖା ନଦୀଗୁଡ଼ିକରେ ଗାଧୋଇବା, ପହଁରିବା କିମ୍ବା କୌଣସି ପ୍ରକାରର ବ୍ୟବସାୟିକ ଓ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକଳାପ ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଯାଇଛି ।

Leave A Reply

Your email address will not be published.