ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଏହା ପ୍ରଭାବରେ ଓଡ଼ିଶା ଉପକୂଳରେ ୨୪ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ଏହାର ପ୍ରଭାବରେ ୨୪ ଅଗଷ୍ଟ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳରେ ୪୦-୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ବର୍ଷା ହେବାର ସମ୍ଭାବନା ଅଧିକ।
ତେବେ ଏହା ପ୍ରଭାବରେ ଓଡ଼ିଶା ଉପକୂଳରେ ୨୪ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାକୁ ନଜରରେ ରଖି ୨୪ ଅଗଷ୍ଟ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର, ପଶ୍ଚିମବଙ୍ଗ -ଓଡିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳରେ ପ୍ରବେଶ ନ କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

