ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ ଜାରି କରାଯାଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଏକ ସୂଚନା ଅନୁଯାୟୀ, ଗୁରୁବାର ଅପରାହ୍ନରେ ଭୁବନେଶ୍ୱର ସହରରେ ବଜ୍ରପାତ ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
ଅପରାହ୍ନ ୧ଟା ୩୦ ମିନିଟ୍ରେ ଜାରି କରାଯାଇଥିବା ଏକ ବିଜ୍ଞପ୍ତିରେ ଆଇଏମଡି ଆଗାମୀ ତିନି ଘଣ୍ଟା ମଧ୍ୟରେ ସହରରେ ବଜ୍ରପାତ ଓ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ‘ୟେଲୋ ୱାର୍ଣ୍ଣିଂ’ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ସୂଚନା ଦିଆଯାଇଛି।
ପାଣିପାଗ ବିଭାଗ ଲୋକମାନଙ୍କୁ ପାଣିପାଗର ପରିବର୍ତ୍ତନ ଉପରେ ନଜର ରଖିବାକୁ ଏବଂ ନିଜର ସୁରକ୍ଷା ପାଇଁ ତଦନୁଯାୟୀ ଯୋଜନା କରିବାକୁ ପରାମର୍ଶ ଦେଇଛି।
ଉଲ୍ଲେଖଯୋଗ୍ୟ, ଆସନ୍ତା ୧୯ରେ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ ସମ୍ଭାବନା ରହିଛି। ଏହା ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ୧୮ ସେପ୍ଟେମ୍ବର ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳକୁ ପ୍ରବେଶ କରିବାର ସମ୍ଭାବନା ରହିଛି ଏବଂ ଏହାର ପ୍ରଭାବରେ ୧୯ ସେପ୍ଟେମ୍ବର ୨୦୨୬ ସନ୍ଧ୍ୟା ସୁଦ୍ଧା ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଅପରପକ୍ଷରେ ୨୩ ତାରିଖରୁ ବର୍ଷା ବଢ଼ିପାରେ ବୋଲି କୁହାଯାଉଛି।

