Latest Odisha News

BREAKING NEWS

ମହାଶିବରାତ୍ରିରେ କିପରି କରାଯାଏ ଭୋଳନାଥଙ୍କ ପୂଜାର୍ଚ୍ଚନା, ଜାଣନ୍ତୁ…

ଭୁବନେଶ୍ୱର: ଶିବଙ୍କ ପୂଜା ଉପାସନା ନିମନ୍ତେ ସୋମବାର, ପ୍ରତ୍ୟେକ ପକ୍ଷର ଚତୁର୍ଦ୍ଦଶୀ ତିଥି ଓ ଶିବରାତ୍ରି ସର୍ବୋକୃଷ୍ଟ । ଅନ୍ୟ ଦେବତାଙ୍କ ପୂଜା ଦିନରେ ହେଉଥିବାବେଳେ ଏହି ପର୍ବରେ ଭଗବାନ ଶିବଙ୍କର ପୂଜା ରାତିରେ ହେଇଥାଏ।

ବ୍ରତାଚାରୀମାନେ ଉକ୍ତ ଦିନରେ ଉପବାସ ରହନ୍ତି ଓ ସନ୍ଧ୍ୟାରେ ଶିବ ମନ୍ଦିର ଯାଇ ଅଖଣ୍ଡ ଦୀପ ଜାଳି ଉଜାଗର ରହନ୍ତି । ସେହି ରାତ୍ରିର ଚାରିପ୍ରହରରେ ଦୀପ ଜାଳିବା ସହିତ ଶିବଙ୍କର ପୂଜା ସହିତ ନାମ ଜପ କରାଯିବାର ବିଧି ରହିଛି । ଗୁରୁଦତ୍ତ ନାମ ଜପର ବିଧି ରହିଛି ଯିଏ ଗୁରୁ କରିନଥିବ ସେ ଶିବଙ୍କର ଅଷ୍ଟନାମ ଯଥା- ଭବ, ଶର୍ବ, ରୁଦ୍ର, ପଶୁପତି, ଉଗ୍ର, ମହାନ ଭୀମ, ଈଶାନ ମଧ୍ୟରୁ ଯେକୌଣସି ନାମ କିମ୍ବା ‘ ଓଁ ନମଃ ଶିବାୟ’ ପଞ୍ଚାକ୍ଷର ମନ୍ତ୍ର ଜପ କରିପାରିବ ।

ଶିବରାତ୍ରିକୁ ଚାରୋଟି ପ୍ରହରରେ ସମ୍ପନ୍ନ କରାଯାଏ । ପ୍ରତ୍ୟେକ ପ୍ରହରର ସମୟ ତିନି ଘଟିକା । ପ୍ରଥମ ପ୍ରହର ବା ସନ୍ଧ୍ୟା ସମୟରେ ଶିବଲିଙ୍ଗକୁ ଦୁଗ୍ଧରେ ଅଭିଷେକ କରାଯାଏ । ଦ୍ୱିତୀୟ ପ୍ରହର ବା ସନ୍ଧ୍ୟାର ପରବର୍ତ୍ତୀ ସମୟରେ ଲିଙ୍ଗକୁ ଦହିରେ ଅଭିଷେକ କରାଯାଏ । ତୃତୀୟ ପ୍ରହର ବା ଘୋର ରାତ୍ର ସମୟରେ ଶିବଲିଙ୍ଗକୁ ମହୁରେ ଅଭିଷେକ କରାଯାଏ ।

ରାତ୍ରର ଶେଷ ପ୍ରହର ସମୟରେ ଶିବ ମନ୍ଦିରର ଚୁଡ଼ାଦେଶକୁ ମହାଦୀପ ଉଠାଯାଏ ।

ସାରା ସଂସାରରୁ ଅଜ୍ଞାନରୂପକ ଅନ୍ଧକାରକୁ ଦୂରକରି ଆଲୋକ ପ୍ରଦାନ କରିବା ହେଉଛି ମହାଦୀପ ଉଠାଣର ଉଦ୍ଦେଶ୍ୟ । ରାତ୍ରର ପ୍ରତ୍ୟେକ ପ୍ରହରରେ ଶିବଲିଙ୍ଗକୁ ପୁଷ୍ପ, ପତ୍ର ଓ ଫଳ ଆଦି ପ୍ରଦାନ କରାଯାଇ ଉପାସନା କରାଯାଏ । ଏହିଦିନ ଭଗବାନ ଶିବଙ୍କ ଉପରେ କେତକୀଫୁଲ ଚଢ଼ାଯିବାର ବିଧି ରହିଛି ।

ଏହି ଦିନ ହିନ୍ଦୁ ନରନାରୀ ଶୁଦ୍ଧପୂତ ଭାବରେ ଉପବାସ ପୂର୍ବକ ଅଖଣ୍ଡ ଦୀପ ଜାଳି ରାତ୍ରି ଉଜାଗର ରହି ବ୍ରତ ପାଳୁଥିବାରୁ ଏହାକୁ ଜାଗର ଓଷା ବା ଜାଗର ବ୍ରତ ମଧ୍ୟ କୁହାଯାଇଥାଏ । ଆତ୍ମ କଲ୍ୟାଣର ରାସ୍ତାକୁ ପରିସ୍କାର କରିବାପାଇଁ ଅଖଣ୍ଡ ସଜାଗତା ଓ ଜ୍ଞାନର ଆଲୋକ ଏ ଦୁଇଟିର ଆବଶ୍ୟକତା ରହିଛି ବୋଲି ଏଇ ପର୍ବ ଶିକ୍ଷା ଦିଏ ।

ମଝିରାତିକୁ ମନ୍ଦିରର ଶିଖରକୁ ବିଶାଳ ମହାଦୀପ ନିଆଯାଏ । ତାହାକୁ ଦର୍ଶନ କରି ଭକ୍ତମାନେ ବିହ୍ୱଳ ହୁଅନ୍ତି । ପରଦିନ ସ୍ନାନାଦି ସମାପନ କରି ଭକ୍ତମାନେ ସେମାନଙ୍କ ଉପବାସ ଭଙ୍ଗ କରନ୍ତି।

Leave A Reply

Your email address will not be published.