ଭୁବନେଶ୍ବର: ଆସନ୍ତା ୯ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ବିଭିନ୍ନ ମଡେଲ ପୂର୍ବାନୁମାନ କରିଛନ୍ତି । ଅନ୍ୟପଟେ, ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହା ସହ ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ବିଭାଗ ।
ରାଜ୍ୟର ୨୦ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ । ଏହା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ରହିଛି ।
ସେପଟେ ଆସନ୍ତାକାଲି ପାଇଁ ମଧ୍ୟ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେପଟେ ଅକ୍ଟୋବର ୭ ଓ ୮ ତାରିଖରେ ରାଜ୍ୟର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ହେବା ନେଇ ସତର୍କ ସୂଚନା ଜାରି ହୋଇଥିବାବେଳେ ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
Comments are closed.