ଭୁବନେଶ୍ବର: ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ଥିବା ଲଘୁଚାପ ସକ୍ରିୟ ରହିଛି । ଆସନ୍ତାକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଫଳରେ ଆଜି ବି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦିନସାରା ଲାଗି ରହିବ ବର୍ଷା । ତେବେ ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ଆଶଙ୍କା ରହିଛି ।
ବର୍ଷା ସହ ଏହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ଭିତରକୁ ଯିବା ପାଇଁ ବାରଣ କରାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ରହିଛି ।
ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ଥିବାରୁ ସମ୍ପୃକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ସେହି ଜିଲାର ଜିଲାପାଳମାନେ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶ ଦିଆଯାଇଛି ।
Comments are closed.