Latest Odisha News

BREAKING NEWS

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀଜିଉଙ୍କ ବନକଲାଗି ନୀତି ଅବସରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଏହି ନୀତିରେ ଶୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ।

ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଏହି ନୀତି କରାଯିବ । ରତ୍ନବେଦୀରେ ଦତ୍ତପହାପାତ୍ର ସେବକଙ୍କ ଦ୍ୱାରା ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ହରିତାଳ, ଶଙ୍ଖ, କସ୍ତୁରୀ, ହିଙ୍ଗୁଳ, କଳା ଆଦି ଦେଶୀୟ ରଙ୍ଗରେ ଶୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ମହାପ୍ରଭୁଙ୍କର ଏହା ଏକ ଗୁପ୍ତ ନୀତି । ଏହି ନୀତି ଅନୁଷ୍ଠିତ ହେବା ସମୟରେ ମହାପ୍ରଭୁଙ୍କୁ କେହି ଦର୍ଶନ କରିବେ ନାହିଁ । ସେଥିପାଇଁ ଆଜି ପ୍ରାୟ ୪ ଘଣ୍ଟା ପର୍ଯ୍ୟନ୍ତ ଅର୍ଥାତ୍ ଅପରାହ୍ନ ୫ଟାରୁ ରାତି ୯ ଟା ଯାଏଁ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି ।

କୌଣସି ଆଭୂଷଣ ନଥାଇ ମହାପ୍ରଭୁଙ୍କ ମୁଖମଣ୍ଡଳ ଭକ୍ତଙ୍କୁ ଆକର୍ଷିତ କରେ । ଏହି ଆକର୍ଷଣର କାରଣ ମୁହଁର ରଙ୍ଗବିନ୍ୟାସ । ଏହି ରଙ୍ଗବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହେଉଥିବାରୁ, ବିଧିମତେ ଥରେ ବନକଲାଗି ପାଇଁ ୭ହଜାରରୁ ଅଧିକ ଟଙ୍କା ଖର୍ଚ୍ଚ ହୁଏ । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।

Leave A Reply

Your email address will not be published.