ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧାମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ନୀତି ସମ୍ପନ୍ନ କରାଯିବ ।
ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।
ଶ୍ରୀମନ୍ଦିର ଗର୍ଭଗୃହସ୍ଥ ରତ୍ନସିଂହାସନରେ ବିରାଜିତ ମହାପ୍ରଭୁ ଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ମୁଖମଣ୍ଡଳର ଦୀପ୍ତି ବଢ଼ାଇବା ପାଇଁ ଶହ ଶହ ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି ଏହି ଗୁପ୍ତ ନୀତି । ଏହି ସେବାରେ ୫ ଜଣ ଦତ୍ତ ମହାପାତ୍ର ସେବାୟତ ନିୟୋଜିତ ରହିବେ ।