Latest Odisha News

ମେଣ୍ଟ ଚର୍ଚ୍ଚା ଭିତରେ ମନମୋହନଙ୍କ ବଡ ବୟାନ, ଏକାକୀ ଲଢିବ ବିଜେପି

ଭୁବନେଶ୍ଵର: ଲୋକସଭା ନିର୍ବାଚନରେ ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଭିତରେ ଏକ ବଡ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବୁ ବୋଲି ସ୍ପଷ୍ଟ କରିଛନ୍ତି ମନମୋହନ । ଏନେଇ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ସୂଚନା ଦେଇଛନ୍ତି ମନମୋହନ ।

BjdElectrycity

ମନମୋହନ କହିଛନ୍ତି ଯେ, ଗତ ୧୦ ବର୍ଷ ଧରି ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ବ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି । ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ । ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ବରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ ବୋଲି କହିଛନ୍ତି ମନମୋହନ ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି । ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହମତ ହୋଇପାରୁନାହୁଁ । ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି (ବିଜେପି) ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ବୋଲି କହିଛନ୍ତି ମନମୋହନ ସାମଲ ।

Leave A Reply

Your email address will not be published.