Latest Odisha News

BREAKING NEWS

ନବୀନ ଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଆମ ଓଡିଶା ନବୀନ ଓଡିଶା । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ସପ୍ତମ ଦିନରେ ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା  । ଏଥିପାଇଁ ବାଲେଶ୍ୱର ଜିଲ୍ଲାର  ରେମୁଣା, ଭୋଗରାଇ, ଜଳେଶ୍ୱର, ବାଲେଶ୍ୱର, ସିମୁଳିଆ, ବସ୍ତା, ସୋର ଓ ନୀଳଗିରି ନିର୍ବାଚନ ମଣ୍ଡଳୀକୁ ମିଳିଛି ୧୭୮ କୋଟି  ଟଙ୍କା । ଏହିସବୁ ନିର୍ବାଚନମଣ୍ଡଳୀର ୧୨ଟି ବ୍ଲକ୍‌‌ର ୩୫୬ଟି  ଗ୍ରାମ ପଞ୍ଚାୟତରେ ୪୪୬୫ଟି ପ୍ରକଳ୍ପ ହେବ। ସେହିପରି ବଲାଙ୍ଗୀର ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୫୮.୫୦ କୋଟି ଟଙ୍କା  ମଂଜୁର ହୋଇଛି। ଏଥିରେ ୧୪ଟି ବ୍ଲକ୍‌ର ୩୧୭ଟି   ଗ୍ରାମପଞ୍ଚାୟତରେ ୩୯୧୧ଟି ପ୍ରକଳ୍ପ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁ ଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ।  ନବୀନ ଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି କହିଛନ୍ତି ନବୀନ  । ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ବିକାଶ ର ଗ୍ୟାରେଣ୍ଟି ମିଳିବ  ।  ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଏବଂ  ଆଧୁନିକତାର ବିକାଶ ହେବ। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ।

Comments are closed.