କଟକ: ବିଶିଷ୍ଟ ଶତାୟୁ ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କର ପରଲୋକ ହୋଇଯାଇଛି। କଟକ ଏସ.ସି.ବି. ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ବୟସ ହୋଇଥିଲା। ସେ ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ମଧ୍ୟ ଥିଲେ। ସୂଚନାଯୋଗ୍ୟ ଯେ, ସ୍ୱର୍ଗତ ମୁଦୁଲି କେନ୍ଦ୍ରାପଡ଼ା ଜିଲ୍ଲାର ଜଣେ ମୂଳ ବାସିନ୍ଦା ଥିଲେ।
ତାଙ୍କ ମୃତ୍ୟୁ ଖବର ଶୁଣି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରକାଶ କରିଛନ୍ତି। ସେ ଏକ୍ସରେ ପୋଷ୍ଟ କରିଛନ୍ତି, ‘ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ଦେହାନ୍ତ ଖବର ପାଇ ମୁଁ ଅତ୍ୟନ୍ତ ଦୁଃଖିତ। ଦେଶ ପାଇଁ ତାଙ୍କର ଅସୀମ ଅବଦାନ ଓ ନିସ୍ୱାର୍ଥପର ସେବା ଆମ ଇତିହାସରେ ସଦା ସୁବର୍ଣ୍ଣ ଅକ୍ଷରରେ ଲିପିବଦ୍ଧ ହୋଇରହିବ। ଏହି ଦୁଃଖଦ ମୁହୂର୍ତ୍ତରେ ଶୋକସନ୍ତପ୍ତ ପରିବାରବର୍ଗ ଓ ଅନୁଗାମୀମାନଙ୍କୁ ଗଭୀର ସମବେଦନା ଜଣାଇବା ସହ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି କାମନା କରୁଛି।’
ଦେଶର ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଅତୁଳନୀୟ ଅବଦାନ ରହିଥିଲା। ନିକଟରେ ସେ ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ଭାବେ ନିର୍ବାଚିତ ହୋଇ କାର୍ଯ୍ୟ କରୁଥିଲେ। ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳ ସମେତ ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳିଯାଇଛି। ବିଭିନ୍ନ ମହଲରୁ ତାଙ୍କ ଅମର ଆତ୍ମାର ସଦଗତି କାମନା କରାଯିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଯାଇଛି।