ଭୁବନେଶ୍ବର:ରାଜ୍ୟରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଯାଜପୁର,ଭଦ୍ରକ ସମେତ ୬ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେବେ ଆସନ୍ତାକାଲି ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯାଜପୁର ଓ ଭଦ୍ରକର ବନ୍ୟାଞ୍ଚଳ ପରିଦର୍ଶନ କରିବେ ବୋଲି ସୂଚନା ରହିଛି ।
ସୂଚନାଥାଉକି, ବୁଢ଼ାବଳଙ୍ଗ, ବ୍ରାହ୍ମଣୀ ଏବଂ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଏହାରି ମଧ୍ୟରେ ପାଣିପାଗ ବିଭାଗ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି। ଆଞ୍ଚଳିକ ପାଣିପାଗ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ,କେଉଁଝର ଜିଲ୍ଲାକୁ ଅତ୍ୟନ୍ତ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ଓ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ବହିବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାକୁ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଛି ରେଡ୍ ଆଲର୍ଟ। ସେହିପରି ଖୋର୍ଦ୍ଧା, ଜଗତସିଂହପୁର,କଟକ,କେନ୍ଦ୍ରାପଡ଼ା, ଯାଜପୁର,ଢେଙ୍କାନାଳ, ଅନୁଗୁଳ, ଦେଓଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।
