Latest Odisha News

୭ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମାଲକାନଗିରି ଜିଲ୍ଲା ଗସ୍ତ କରି ଆକାଶମାର୍ଗରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି । ଏହାପରେ ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରି ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଭାଙ୍ଗି ଯାଇଥିବା ସମସ୍ତ କଚ୍ଚା ଘର ନିମନ୍ତେ ତୁରନ୍ତ ସହାୟତା ପ୍ରଦାନ ଉପରେ ଗୁରୁତ୍ବ ଆରୋପ କରିଛନ୍ତି । ବିଜୁଳି ସଂଯୋଗୀକରଣ କାର୍ଯ୍ୟକୁ ଅଗ୍ରାଧିକାର ଭିତ୍ତିରେ ସଂପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ଜଣେ ମଧ୍ୟ ପ୍ରଭାବିତ ବ୍ୟକ୍ତି ସରକାରୀ ସହାୟତା ପାଇବାରୁ ଯେପରି ବଞ୍ଚିତ ନ ହୁଅନ୍ତି ତାହା ସୁନିଶ୍ଚିତ କରିବାକୁ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ପ୍ରବଳ ବର୍ଷା ଯୋଗୁଁ ଜଳ ଜନିତ ରୋଗର ସମ୍ଭାବନାକୁ ରୋକିବା ପାଇଁ ପର୍ଯ୍ୟାପ୍ତ ପରିମାଣରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି ।

ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନର ବ୍ୟାପକ ପୂର୍ବ ପ୍ରସ୍ତୁତି ଯୋଗୁଁ କୌଣସି କ୍ଷତି ହୋଇନାହିଁ ବୋଲି ମତ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେ ଆହୁରି କହିଛନ୍ତି ଯେ, ପ୍ରତିଦିନ ପାଣିପାଗ ବିଭାଗଠାରୁ ପ୍ରାପ୍ତ ସୂଚନା ଅନୁଯାୟୀ ସତର୍କ ସୂଚନା ସଂପୃକ୍ତ ଜିଲ୍ଲାମାନଙ୍କୁ ନିରନ୍ତର ଭାବେ ପ୍ରେରଣ କରାଯାଉଥିଲା । ଏଥିସହିତ ରାଜ୍ୟ ଆପଦକାଳୀନ ପରିଚାଳନା କେନ୍ଦ୍ରରୁ ୨୪ ଘଣ୍ଟିଆ ଭାବେ ପରିସ୍ଥିତି ଉପରେ ନଜର ରଖାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed.