Latest Odisha News

BREAKING NEWS

ମେ’୩୦ ସନ୍ଧ୍ୟା ୫.୩୦ରେ ‘ବନ୍ଦେ ଉତ୍କଳ ଜନନୀ’ ଗାଇବାକୁ ବାର୍ତ୍ତା ଦେଲେ ନବୀନ

ଭୁବନେଶ୍ୱର: କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତା ଦେଇଛନ୍ତି । କରେନାର ଯୋଦ୍ଧାଙ୍କ ପାଇଁ ମେ’ ୩୦ ତାରିଖ ସନ୍ଧ୍ୟା ସାଢ଼େ ୫ଟାରେ ବନ୍ଦେ ଉତ୍କଳ ଜନନୀ ଗାଇବାକୁ ରାଜ୍ୟବାସୀଙ୍କୁ ନବୀନ ନିବେଦନ କରିଛନ୍ତି ।

ସେ କହିଛନ୍ତି, ଆପଣମାନେ ଦୁନିଆରେ ଯେଉଁଠାରେ ବି ଥାଆନ୍ତୁ, ସମସ୍ତେ ସାମାଜିକ ଦୂରତା ରକ୍ଷା କରି ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ କରନ୍ତୁ । ଏହାର ଉଦ୍ଦେଶ୍ୟ ହେଉଛି ଆମର କୋଭିଡ ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା । ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା।

ଆମର ସଂକଳ୍ପକୁ ଆହୁରି ଦୃଢ କରିବା ପାଇଁ ଏହା ପ୍ରେରଣା ଯୋଗାଇବ । ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଦାବି ସମୟରେ ଉତ୍କଳ ସମ୍ମିଳନୀର ଆଦ୍ୟ ସଂଗୀତ ଥିଲା ବନ୍ଦେ ଉତ୍କଳ ଜନନୀ । ଓଡିଆ ଜାତୀୟତାର ବନ୍ଧନକୁ ଏହା ମଜବୁତ କରିଥିଲା । ବର୍ତ୍ତମାନ ସମୟରେ ଏହା ଓଡିଆ ଜାତିକୁ, ଆମ ସମସ୍ତଙ୍କୁ ଅଭୂତପୂର୍ବ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଗକୁ ଆମ ପାଇଁ ଆହୁରି କଠିନ ରାସ୍ତା ଆସିପାରେ । ଆଗାମୀ ଦିନର ଆହ୍ବାନକୁ ସଫଳ ଭାବରେ ମୁକାବିଲା କରିବା ଏବଂ ନୂଆ ସଂକଳ୍ପ ନେଇ କାମ କରିବା ପାଇଁ ଏହା ଆମକୁ ଶକ୍ତି ଯୋଗାଇବ ବୋଲି ନବୀନ ଆଜି ତାଙ୍କ ଭିଡିଓ ବାର୍ତ୍ତାରେ ରାଜ୍ୟବାସୀଙ୍କୁ କହିଛନ୍ତି ।

Comments are closed.