Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ୬୫ କୋଟି ବ୍ୟୟରେ କଟକରେ ନିର୍ମାଣ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ

ଭୁବନେଶ୍ବର: କଟକର ଖାନନଗର ଠାରେ ନିର୍ମିତ ହେବାକୁ ଯାଉଛି ଅତ୍ୟାଧୁନିକ ବସ୍‌ ଟର୍ମିନାଲ। ଏଥିରେ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା। ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକରେ ଘୋଷଣା କରିଛନ୍ତି। ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟକାରୀ କରାଯିବା ନେଇ ସୂଚନା ମିଳିଛି।

ବାଦାମବାଡି ବସ୍‌ଷ୍ଟାଣ୍ଡ ଜନଗହଳି ବୃଦ୍ଧି ସହିତ ସ୍ଥାନାଭାବ ଦୃଷ୍ଟିରୁ ଜନସାଧାରଣ ଓ ଯାତ୍ରୀ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ଖାନନଗରରେ ପ୍ରତିଷ୍ଠା କରିବାପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲରେ ନେତାଜୀଙ୍କ ଜୀବନ ଓ ସଂଗ୍ରାମ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ଏକ ସ୍ବତନ୍ତ୍ର Kiosk କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଟର୍ମିନାଲର ବିଭିନ୍ନ ସ୍ଥାନରେ ନେତାଜୀଙ୍କ ଆଦର୍ଶ ଓ ଜୀବନୀ ସଂପର୍କରେ ପ୍ରଚାର ପ୍ରସାର ପାଇଁ ବିଭିନ୍ନ ଚିତ୍ର ରଖାଯିବ। ଏହି ବସ୍‌ ଟର୍ମିନାଲରେ ଯାତ୍ରୀମାନଙ୍କର ସୁବିଧା ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ଏଥିରେ ଏକ ବୃହତ ଟର୍ମିନାଲ ବିଲ୍‌ଡିଂ, ସାଧାରଣ ଯାତ୍ରୀବାହୀ ବସ୍‌ ପାଇଁ ସ୍ଥାନ ସ୍ଥାନୀୟ ଓ ମୋ ବସ୍‌ ସେବା ପାଇଁ ସ୍ଥାନ, ଯାନ ମରାମତି ଓ ରକ୍ଷଣାବେକ୍ଷଣ ବ୍ଲକ୍‌, ଚାରି ଚକିଆ ଯାନ ଓ ଅଟୋ ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ।

୧ ଲକ୍ଷ ୧୮ ହଜାର ବର୍ଗ ଫୁଟରେ ଏଥିପାଇଁ ୩ ମହଲା ବିଶିଷ୍ଟ ଟର୍ମିନାଲ ବିଲ୍‌ଡିଂ ନିର୍ମାଣ କରାଯାଇ ଏଥିରେ ଯାତ୍ରୀ ବିଶ୍ରାମସ୍ଥଳ, ଫୁଡ କୋର୍ଟ, ଟିକେଟ ଗୃହ, ଇ-ଯାନ ଚାର୍ଜିଂ ପଏଣ୍ଟ, ଛାତ ଉପରେ ବର୍ଷା ଜଳ ସଂରକ୍ଷଣ ଏବଂ ସୌର ପ୍ୟାନେଲ ମଧ୍ୟ ରଖାଯିବ। ଏହି ଟର୍ମିନାଲରେ ଏକ ସମୟରେ ୧୮୦ଟି ବସ୍‌ ପାର୍କିଂର ବ୍ୟବସ୍ଥା ରହିବ। ଯାତ୍ରୀମାନଙ୍କ ସୁବିଧା ପାଇଁ ବିଭିନ୍ନ ସୁବିଧା ମାନ କରାଯିବ।

ଏହି ନିର୍ମାଣ ପାଇଁ କଟରର ରିଂଗ୍‌ ରୋଡକୁ ଆଉ ଦୁଇ କିଲୋମିଟର ସଂପ୍ରସାରଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛୁ।

Leave A Reply

Your email address will not be published.