ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀଠାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହମନ୍ତ୍ରୀଙ୍କ ନିରନ୍ତର ପ୍ରେରଣାରେ ବିକାଶ, ପ୍ରଗତି ଓ ସମୃଦ୍ଧିର ଏକ ନୂତନ ପଥରେ ଓଡ଼ିଶା ଦ୍ରୁତ ଗତିରେ ଆଗେଇ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ରାଜ୍ୟର ବିକାଶମୂଳକ ପଦକ୍ଷେପ, ଆଇନ ଶୃଙ୍ଖଳା ପରିସ୍ଥିତି, ଆଭ୍ୟନ୍ତରୀଣ ସୁରକ୍ଷା ଏବଂ ବିଭିନ୍ନ ବିକାଶମୂଳକ ଓ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ଅବଗତ କରାଇଥିଲେ।କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦୃଢ଼ ନେତୃତ୍ୱ ଯୋଗୁଁ ଓଡ଼ିଶା ଆଜି ଏକ “ନକ୍ସଲମୁକ୍ତ ରାଜ୍ୟ” ଭାବେ ମାନ୍ୟତା ପାଇପାରିଛି ବୋଲି ଦର୍ଶାଇ ମୁଖ୍ୟମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ନକ୍ସଲ ଦମନରେ ଏହି ସଫଳତା ରାଜ୍ୟର ସାମାଜିକ-ଅର୍ଥନୈତିକ ବିକାଶ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିଛି।ନକ୍ସଲ ମୁକ୍ତ ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ‘ଗ୍ରାମୋଦୟ ଯୋଜନା’ ମାଧ୍ୟମରେ ସେହି ଅଞ୍ଚଳ ଗୁଡ଼ିକରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ କଲ୍ୟାଣକାରୀ ଯୋଜନା ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକାରୀ କରୁଛନ୍ତି। ସକ୍ରିୟ ପୋଲିସିଂ ଯୋଗୁଁ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଗତ ଦୁଇ ବର୍ଷ ମଧ୍ୟରେ ଓଡ଼ିଶାରେ ହୋଇଥିବା ଦ୍ରୁତ ଶିଳ୍ପାୟନ ବିଷୟରେ ଆଲୋଚନା କରି ଏହାକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ଶିଳ୍ପ ସୁରକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଗୃହମନ୍ତ୍ରୀଙ୍କ ସହଯୋଗ ଲୋଡ଼ିଛନ୍ତି। ସେହିପରି ସମବାୟ କ୍ଷେତ୍ରରେ ମଧ୍ୟ କେନ୍ଦ୍ର ସରକାର ଓଡ଼ିଶାକୁ ସହଯୋଗ ଯୋଗାଇ ଦେଉଛନ୍ତି। ଓଡ଼ିଶାରେ ଚିନି କଳ ଗୁଡ଼ିକର ପୁନରୁଦ୍ଧାର ପାଇଁ କେନ୍ଦ୍ର ସରକାରଙ୍କ ପ୍ରତ୍ୟକ୍ଷ ସହଯୋଗ ଯୋଗୁ ଗୃହ ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ମୁଖ୍ୟମନ୍ତ୍ରୀ।
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ରାଜ୍ୟର ପ୍ରଶଂସନୀୟ ଓ ଜନକଲ୍ୟାଣକାରୀ ପଦକ୍ଷେପଗୁଡ଼ିକର ଭୂୟସୀ ପ୍ରଶଂସା କରିଥିଲେ ଏବଂ ଓଡ଼ିଶାବାସୀଙ୍କ ଆଶା ଆକାଂକ୍ଷା ପୂରଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ଆଶ୍ୱାସନା ଦେଇଥିଲେ।