Latest Odisha News

BREAKING NEWS

୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ  ୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିରେ ଖୋର୍ଦ୍ଧା ଜିଲ୍ଲାର ୬୨ଟି ହାଇସ୍କୁଲ, ବରଗଡ ଜିଲ୍ଲାର ୬୨ଟି, ମୟୁରଭଞ୍ଜ ଜିଲ୍ଲାର ୧୦୦ଟି, ବୌଦ୍ଧ ଜିଲ୍ଲାର ୨୩ଟି ହାଇସ୍କୁଲ ଏବଂ ନବରଙ୍ଗପୁର ଜିଲ୍ଲାର ୭୬ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ପଞ୍ଚମ ଦିନରେ  ସମୁଦାୟ ୧୮୧୬ଟି  ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଛି।

ସୂଚନାଯୋଗ୍ୟ ଯେ ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି  ସ୍କୁଲ ରୂପାନ୍ତରିତ ହୋଇଥିଲା । ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ରୂପାନ୍ତରର  ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି। ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନା ଠାରୁ ଆରମ୍ଭ କରି ରୂପାୟନର ସବୁ ସ୍ତରରେ ସଂଶ୍ଲିଷ୍ଟ ହୋଇଛନ୍ତି । କେଉଁ କାର୍ଯ୍ୟରେ କେତେ ଖର୍ଚ୍ଚ ହେଉଛି, ସେ ବିଷୟରେ ମଧ୍ୟ ସେମାନେ ଜାଣନ୍ତି। ତେଣୁ ସ୍କୁଲ ରୂପାନ୍ତର ହେଉଛି, ଜନ ଭାଗିଦାରୀର ଏକ ପ୍ରକୃଷ୍ଟ ଉଦାହରଣ ।  ଆଜି ସ୍କୁଲ ରୂପାନ୍ତରର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।

ଏହି ଅବସରରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇଥିବା ସ୍କୁଲ ଗୁଡିକରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫-ଟିର ଉପଯୋଗ  ସଂପର୍କରେ ବୁଝାଇ କହିଲେ ଯେ ବର୍ତ୍ତମାନ ଯୁଗ ହେଉଛି ଟେକ୍‌ନୋଲୋଜିର ଯୁଗ । ଜୀବନର ସବୁ କ୍ଷେତ୍ରକୁ ଟେକ୍‌ନୋଲୋଜି ପ୍ରଭାବିତ କରୁଛି। ତେଣୁ ପିଲାମାନେ  ନୂଆ ନୂଆ ଟେକ୍‌ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ । ଏହାଦ୍ବାରା ସେମାନେ ଆଧୁନିକ ଯୁଗରେ ସବୁ କ୍ଷେତ୍ରରେ ଆଗରେ ରହିପାରିବେ।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଛାତ୍ରଛାତ୍ରୀ ମାନଙ୍କ ସଫଳତା ହେଉଛି ଓଡିଶାର ସଫଳତା । ୫-ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡିଶାର ଗୌରବ ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Comments are closed.