Latest Odisha News

BREAKING NEWS

୧୯ଟି ସହରରେ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସମସ୍ତଙ୍କ ମୁହଁରେ ହସ, ପାଣି ପାଇଁ ଅପେକ୍ଷାରୁ ମୁକ୍ତି । 5T ଉପକ୍ରମରେ ରାଜ୍ୟର ୧୯ଟି ସହରରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ପ୍ରକଳ୍ପ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି । ଉପଭୋକ୍ତାମାନେ ସେମାନଙ୍କ ଖୁସି ବ୍ୟକ୍ତ କରି କହିଛନ୍ତି, ପାଣି ପାଇଁ ଘଣ୍ଟା ଘଣ୍ଟା ଧରି ଧାଡ଼ି ବାନ୍ଧି ଅପେକ୍ଷା କରିବା, ପାଣିକୁ ସାଇତି ରଖିବା ଆଦି ସବୁ ଜଞ୍ଜାଳରୁ ମୁକ୍ତି ମିଳିଛି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୋଟି କୋଟି ଧନ୍ୟବାଦ ।

BjdElectrycity

ଆଜି ଲୋକସେବା ଭବନର କନଭେନସନ ହଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 5T ଉପକ୍ରମରେ ରାଜ୍ୟର ୧୯ଟି ସହରରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ ଟ୍ୟାପ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ଏହି ସହର ଗୁଡ଼ିକ ହେଲା ଭୁବନେଶ୍ବର, କଟକ, ନିମାପଡ଼ା, ବ୍ରହ୍ମପୁର, ଗୋପାଳପୁର, ରାଉରକେଲା, ସୁନ୍ଦରଗଡ଼, ବୀରମିତ୍ରପୁର, ରାଜଗାଙ୍ଗପୁର, କେନ୍ଦୁଝର, ଯୋଡ଼ା, ବଡ଼ବିଲ, ଚମ୍ପୁଆ, ଆନନ୍ଦପୁର, ବାରିପଦା, ରାଇରଙ୍ଗପୁର, ଉଦଳା, କରଞ୍ଜିଆ ଓ ବ୍ୟାସନଗର । ଏହିସବୁ ସହର ଗୁଡ଼ିକର ୫.୫୦ ଲକ୍ଷ ଲୋକ ଏଥିରୁ ଉପକାର ପାଇବେ ।

ପୂର୍ବରୁ 5T ଉପକ୍ରମରେ ପୁରୀରେ ସବୁ ଲୋକଙ୍କୁ ଡ୍ରିଙ୍କ ଫ୍ରମ୍ ଟ୍ୟାପ ସୁବିଧା ମିଳିଥିଲା । ଆଜି ଗୋପାଳପୁରରେ ମଧ୍ୟ ରାଜ୍ୟର ଦ୍ୱିତୀୟ ସହର ଭାବେ ଶତ ପ୍ରତିଶତ ଲୋକଙ୍କୁ ଡ୍ରିଙ୍କ ଫ୍ରମ୍ ଟ୍ୟାପ ବ୍ୟବସ୍ଥାର ସୁବିଧା ମିଳିଲା । ଏହାବ୍ୟତୀତ ଖୋର୍ଦ୍ଧା, ଜଟଣୀ ଓ ହିଞ୍ଜିଳିକାଟୁ ସହର ପାଇଁ ମୁଖ୍ୟମନ୍ତ୍ରୀ ଡ୍ରିଙ୍କ ଫ୍ରମ ଟ୍ୟାପ କାର୍ଯ୍ୟକ୍ରମର ଆରମ୍ଭ ଘୋଷଣା କରିଥିଲେ । ଏହାଦ୍ୱାରା ଏହି ୩ଟି ସହରର ୧.୫୦ ଲକ୍ଷ ଲୋକ ଉପକୃତ ହେବେ ।

ଜନସାଧାରଣଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ପ୍ରତି ପରିବାରକୁ ଭଲ ପିଇବା ପାଣି ଯୋଗାଇବା ମୋର ବହୁତ ଦିନର ସ୍ୱପ୍ନ ଏବଂ ଏହା ସବୁବେଳେ ମୋ ସରକାରର ପ୍ରାଥମିକତା ହୋଇ ରହିଛି । ୧୯ଟି ସହରକୁ ଡ୍ରିଙ୍କ ଫ୍ରମ ଟ୍ୟାପ ସେବାରେ ଯୋଡ଼ି ମୁଖ୍ୟମନ୍ତ୍ରୀ କହିଥିଲେ, ଆଜି ଏକ ଐତିହାସିକ ଦିନ । ଜଳ ଆମ ସମସ୍ତଙ୍କ ପାଇଁ ଅମୂଲ୍ୟ । ତେଣୁ ଆମେ ଏହାକୁ ଉପଯୁକ୍ତ ଭାବେ ବ୍ୟବହାର କରିବା ଉଚିତ୍ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ଗୋଟିଏ ବି ବୁନ୍ଦା ଜଳ ନଷ୍ଟ ନ କରିବା ପାଇଁ ଜନସାଧାରଣଙ୍କୁ ନିବେଦନ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ, ଜଳ ହେଉଛି ଜୀବନ। ଜନସ୍ୱାସ୍ଥ୍ୟ ଓ ଦୈନନ୍ଦିନ ଜୀବନର ସୁବିଧା ପାଇଁ ସ୍ୱଚ୍ଛ ଜଳ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ 5T ଉପକ୍ରମରେ ଏହି ସୁବିଧା ଦ୍ୱାରା ଜନସାଧାରଣଙ୍କ ଜୀବନ ଧାରଣ ମାନରେ ପ୍ରଭୂତ ଉନ୍ନତି ଆଣିବ । ବିଶ୍ୱର ବଡ଼ ବଡ଼ ସହରର ବ୍ୟବସ୍ଥା ସହିତ ଆଜି ଓଡ଼ିଶାର ସହର ଗୁଡ଼ିକ ମଧ୍ୟ ଯୋଡ଼ି ହୋଇଛନ୍ତି । ବ୍ୟୁରୋ ଅଫ୍ ଇଣ୍ଡିଆନ୍ ଷ୍ଟାଣ୍ଡାର୍ଡ୍ସର ମାନ ଅନୁଯାୟୀ ଉତ୍ତମ ଓ ସ୍ୱଚ୍ଛ ଜଳ ପାଇପାରୁଛନ୍ତି। ଏହି ସେବା ପାଇଁ ମୁଖ୍ୟମନ୍ତ୍ରୀ ୱାଟକୋ ଧନ୍ୟବାଦ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ ନେତୃତ୍ବ ଯୋଗୁ ଆଜି ଓଡ଼ିଶାବାସୀ ଉନ୍ନତ ମାନର ସେବା ପାଇ ପାରୁଛନ୍ତି । ସ୍ୱଚ୍ଛ ପାନୀୟ ଜଳ ଯୋଗାଣ ରାଜ୍ୟ ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ସେ ବିଭାଗୀୟ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ ।

ଓମ୍‌ବାଡସିର ଓଭରସାଇଟ୍‌ ଅଥରିଟି ଜଷ୍ଟିସ ଅନନ୍ତ ପଟ୍ଟନାୟକ କହିଲେ ଯେ ତାଙ୍କର କାର୍ଯ୍ୟର ଆବଶ୍ୟକତା ଯୋଗୁ ସେ ମାଇନିଂ ଅଞ୍ଚଳକୁ ପ୍ରାୟତଃ ଗସ୍ତ କରନ୍ତି । ପାଣି ପାଇଁ ଲୋକଙ୍କ ଅସୁବିଧାକୁ ସେ ଅନୁଭବ କରିଛନ୍ତି ବୋଲି ପ୍ରକାଶ କରି କହିଛନ୍ତି, ଆଜି ସେ ଅଞ୍ଚଳ ଗୁଡ଼ିକରେ ପିଇବା ପାଣି କ୍ଷତ୍ରରେ ଉଲ୍ଲେଖନୀୟ କାମ ହୋଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭୂମିକା ବାସ୍ତବରେ ପ୍ରଶଂସନୀୟ ।

ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ ସ୍ୱାଗତ ଭାଷଣ ଦେଇଥିଲେ ଓ ୱାଟକୋର ସିଇଓ ପି.କେ ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ଅଶୋକ ପଣ୍ଡା, ଭୁବନେଶ୍ୱରର ମେୟର ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଭି.କେ. ପାଣ୍ଡିଆନ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ । ୧୯ଟି ସହରର ନେତୃବୃନ୍ଦ, ଅଧିକାରୀଗଣ ଓ ଜନସାଧାରଣ ଭିଡିଓ କନଫରେନ୍ସିଂ ଜରିଆରେ ଯୋଡ଼ି ହୋଇଥିଲେ ।

Leave A Reply

Your email address will not be published.