Latest Odisha News

କୁଚିଣ୍ଡାରେ BSKY ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ୧୫୫୩ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଉଦଘାଟନ

ସମ୍ବଲପୁର : କୁଚିଣ୍ଡାରେ ସମ୍ବଲପୁର ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲାର ୭ ଲକ୍ଷ ୭୩ ହଜାର ଲୋକ ଏହି ସୁବିଧା ପାଇବେ । ଏହି ଅବସରରେ କୁଚିଣ୍ଡାର ସରସ୍ବତୀ ଭୋଇ ଜିଲ୍ଲାର ପ୍ରଥମ ହିତାଧିକାରୀ ଭାବରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ କାର୍ଡ଼ ଗ୍ରହଣ କରିଥିଲେ ।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ସଂସ୍କୃତି, ରାଜନୀତି, ଶିକ୍ଷା, ଇତିହାସ, ଅର୍ଥନୀତି ସବୁ କ୍ଷେତ୍ରରେ ସମ୍ବଲପୁରର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ସମ୍ବଲପୁରୀ ଶାଢୀ, ସମ୍ବଲପୁରୀ ଗୀତ ଓଡିଶାର ମହାନ ସଂସ୍କୃତିର ପରିଚୟ । ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢ଼େ ୩ କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି । ସେହିପରି ସଡକ ଦୁର୍ଘଟଣାରେ ବହୁ ଲୋକଙ୍କର ମୃତ୍ୟୁ ହେଉଛି । ଏ କ୍ଷେତ୍ରରେ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦିଆଯାଇ ପାରିଲେ, ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇ ହେବ । ଆହତ ଲୋକଙ୍କୁ ତୁରନ୍ତ ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି । ଦୁର୍ଘଟଣା କ୍ଷେତ୍ରରେ ପ୍ରଥମ ୪୮ ଘଣ୍ଟା ମଧ୍ୟରେ ଚିକିତ୍ସା ଯୋଗାଇ ଦେବା ଅତି ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଗସ୍ତ ଅବସରରେ ସମ୍ବଲପୁରରେ ୧୫୫୩ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ ଓ ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାର ଭଲ ପିଇବା ପାଣି ଉପରେ ଗୁରୁତ୍ବ ଦେଉଛନ୍ତି । ସମ୍ବଲପୁରରେ ପିଇବା ପାଣି ପାଇଁ ୧୦୦୦ କୋଟି ଟଙ୍କା ଯୋଗାଇ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଗାଁ ଓ ସହର ସବୁ ପରିବାର ପାଖରେ ପିଇବା ପାଣି ପହଞ୍ଚିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କୁଚିଣ୍ଡା ଓ ରେଢାଖୋଲ ଏନ୍ଏସିର ସବୁ ଘରକୁ ପାଇପ ପାଣି ଯୋଗାଇ ଦିଆଯାଇଛି । ୨୦୨୨ରେ ସମ୍ବଲପୁର ଜିଲ୍ଲାର ପ୍ରତି ଘରକୁ ପାଇପ ପାଣି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Leave A Reply

Your email address will not be published.