Latest Odisha News

BREAKING NEWS

ରବି ଫସଲ ପାଇଁ ଚାଷୀଙ୍କୁ ମିଳିଲା ‘କାଳିଆ’ ଟଙ୍କା

ଭୁବନେଶ୍ବର : ଚାଷୀଙ୍କୁ ମିଳିଲା କାଳିଆ ଟଙ୍କା । ରାଜ୍ୟର ୩୭ ଲକ୍ଷ ୧୨ ହଜାର ୯୧୪ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଙ୍କୁ ରବି ଫସଲ ପାଇଁ କାଳିଆ ଯୋଜନାରେ ୭୪୨.୫୮ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨୦୦୦ ଟଙ୍କା ଲେଖାଏ ଜମା କରାଯାଇଛି । ପବିତ୍ର ନୂଆଁଖାଇ ଅବସରରେ ଚାଷୀଙ୍କୁ କାଳିଆ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚାଷୀର ସମସ୍ୟା ସାରା ରାଜ୍ୟର ସମସ୍ୟା । ଚାଷୀର ସମସ୍ୟାକୁ କେବେ ଅଣଦେଖା କରାଯାଇପାରିବ ନାହିଁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଏମଏସପି ଓ ଫସଲ ବୀମା ସଂପର୍କରେ ମଧ୍ୟ ବାରମ୍ବାର କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଉଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସରକାର ସବୁବେଳେ ଚାଷୀ ମାନଙ୍କ ସହ ଅଛନ୍ତି । ଚଳିତ ବର୍ଷ କମ୍‌ ବର୍ଷା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଅଗଷ୍ଟରେ କମ୍‌ ବର୍ଷା ହୋଇଛି । ହେଲେ ବର୍ତ୍ତମାନ ଭଲ ବର୍ଷା ହେଉଥିବାରୁ ଆଗକୁ ସ୍ଥିତିରେ ଉନ୍ନତି ଆସିବ ବୋଲି ଆଶା ପ୍ରକାଶ କରିଛନ୍ତି । ପରିସ୍ଥିତି ଉପରେ ସରକାର ନଜର ରଖିଛନ୍ତି । ଏହାସହ କୃଷି ବିଭାଗର କ୍ଷେତ୍ର ଅଧିକାରୀମାନଙ୍କୁ ଚାଷୀ ମାନଙ୍କ ସହ ସବୁବେଳେ ସଂପର୍କରେ ରହି ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

କାଳିଆ ଯୋଜନା ଚାଷୀର କଲ୍ୟାଣ ପାଇଁ ସାରା ଦେଶରେ ସବୁଠାରୁ ଭଲ ଯୋଜନା । ଭୂମିହୀନ ଚାଷୀ ମାନଙ୍କୁ ସହାୟତା ଦେବାରେ ଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ । ଲକ୍ଷ ଲକ୍ଷ ଛୋଟ ଚାଷୀ କାଳିଆ ଯୋଜନାରେ ସବୁଠାରୁ ଅଧିକ ଉପକାର ପାଉଛନ୍ତି । କୋଭିଡ ମହାମାରୀ ଆରମ୍ଭ ହେବା ଠାରୁ ରାଜ୍ୟ ସରକାର ଏହି ଯୋଜନାରେ ଚାଷୀ ମାନଙ୍କୁ ୩୨୦୦ କୋଟି ଟଙ୍କାରୁ ଅଧିକ ସହାୟତା ପ୍ରଦାନ କରିସାରିଲେଣି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି କାଳିଆ କାର୍ଯ୍ୟକ୍ରମ ଚାଷୀ କୂଳ ପାଇଁ ସାହାରା ହୋଇଛି ବୋଲି ମତ ଦେଇଛନ୍ତି କୃଷିମନ୍ତ୍ରୀ ଅରୁଣ ସାହୁ ।

Leave A Reply

Your email address will not be published.