Latest Odisha News

BREAKING NEWS

ସାରା ରାଜ୍ୟରେ ଆରମ୍ଭ ହେଲା ଗୋଟିଏ ଦେଶ, ଗୋଟିଏ ରାସନ ଯୋଜନା

ଭୁବନେଶ୍ବର : ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଦୁଇଟି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜିଠାରୁ ଓଡ଼ିଶାର ସବୁ ଜିଲ୍ଲାରେ ଗୋଟିଏ ଦେଶ, ଗୋଟିଏ ରାସନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହାଦ୍ବାରା ରାଜ୍ୟ ବାହାରର ଲୋକ ଓଡ଼ିଶାରେ ଓ ଓଡ଼ିଶାର ଲୋକ ରାଜ୍ୟ ବାହାରେ ତାଙ୍କ ପସନ୍ଦର ଦୋକାନରୁ ରାସନ ପାଇପାରିବେ । ରାଜ୍ୟର ୧୦ ହଜାର ୫୭୮ ସୁଲଭ ମୂଲ୍ୟ ଦୋକାନରେ ହିତାଧିକାରୀମାନେ ଏହି ସୁବିଧା ପାଇବେ । ଏହାସହିତ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ପାଇଲଟ୍‌ ପ୍ରକଳ୍ପ ଭାବରେ ମାଲକାନଗିରି ଜିଲ୍ଲାରେ ଭିଟାମିନ ଯୁକ୍ତ ଚାଉଳ ପ୍ରଦାନ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ ହୋଇଛି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବାଭିମାନର ସହ ବଞ୍ଚିବା ସମସ୍ତଙ୍କର ଅଧିକାର ଓ ଗରିବ ଲୋକଙ୍କୁ ଏହି ଅଧିକାରରୁ କେହି ବଞ୍ଚିତ କରିପାରିବ ନାହିଁ । ଆମର ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ଏହି ଅଧିକାରକୁ ଆମେ ସବୁବେଳେ ସମ୍ମାନ ଜଣାଇ ଆସିଛୁ । ଗରିବ ଲୋକଙ୍କ କଲ୍ୟାଣ ପାଇଁ ଆମର ଉଦ୍ୟମ ଜାରି ରହିବ । ଭିଟାମିନଯୁକ୍ତ ଚାଉଳରେ ଭିଟାମିନ ବି-୧୨ ଓ ଫୋଲିକ୍‌ ଏସିଡ ଥିବାରୁ ଏହା ବିଶେଷକରି ମହିଳା ଓ ବାଳିକା ମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଦିଗରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଖାଦ୍ୟ ସୁରକ୍ଷା ରାଜ୍ୟ ସରକାରଙ୍କ ସବୁଠାରୁ ବଡ କଲ୍ୟାଣ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମ ଜରିଆରେ ରାଜ୍ୟର ୯୩ ଲକ୍ଷ ପରିବାର ଓ ସାଢେ ୩ କୋଟି ଲୋକ ଉପକାର ପାଉଛନ୍ତି । ୨୦୦୮ରେ ରାଜ୍ୟ ସରକାର କେଜି ୨ ଟଙ୍କାରେ ଓ ୨୦୧୩ରୁ କେଜି ୧ ଟଙ୍କାରେ ଚାଉଳ ଯୋଗାଇ ଆସୁଛନ୍ତି । କେଜି ୧ ଟଙ୍କାରେ ଚାଉଳ ମିଳିବା ଦ୍ବାରା ଗରିବ ଲୋକଙ୍କର ଖାଦ୍ୟ ନିରାପତ୍ତା ମଜବୁତ ହୋଇଛି ।

ଖାଦ୍ୟ ନିରାପତ୍ତା ସହିତ ରାଜ୍ୟ ସରକାର ମାଗଣାରେ ପିଲାମାନଙ୍କ ପାଇଁ ଶିକ୍ଷା ବ୍ୟବସ୍ଥା କରିଛନ୍ତି । ଜୋତା ଠାରୁ ଆରମ୍ଭ କରି ପୋଷାକ, ବହି, ସାଇକେଲ ସରକାର ଯୋଗାଇ ଦେଉଛନ୍ତି । ସ୍ବାସ୍ଥ୍ୟ ସୁବିଧା ପାଇଁ ସବୁ ସରକାରୀ ଡାକ୍ତରଖାନାରେ ସମସ୍ତଙ୍କ ପାଇଁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯାଉଛି । ତା ସହିତ ଗରିବ ଲୋକଙ୍କ ପାଇଁ ବିଭିନ୍ନ ରୋଜଗାର ଯୋଜନା ମଧ୍ୟ କାର୍ଯ୍ୟକାରୀ କରାଯାଉଛି । ମିଶନ ଶକ୍ତି କାର୍ଯ୍ୟକ୍ରମ ମଧ୍ୟ ଗରିବ ପରିବାରର ମା’ ମାନଙ୍କୁ ରୋଜଗାର ଦେଇଛି । ଚାଷଙ୍କ ପାଇଁ କାଳିଆ ଯୋଜନା ସାରା ଦେଶରେ ଆଦର ଲାଭ କରିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

କୋଭିଡ ମହାମାରୀ ସମୟରେ ଗରିବ ଲୋକଙ୍କ ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ସେ ଗୁରୁତ୍ବ ଦେଇ ସେ କହିଲେ ଯେ, କୋଭିଡ ମହାମାରୀ, ଗରିବ ଲୋକଙ୍କର ରୋଜଗାର ଉପରେ ଗଭୀର ପ୍ରଭାବ ପକାଇଛି । ତେଣୁ ଗରିବ ଲୋକଙ୍କ ରୋଜଗାର ପାଇଁ ଚାଷୀ, ମହିଳା, ଶ୍ରମିକ ମାନଙ୍କ ପାଇଁ ରାଜ୍ୟ ସରକାର ୨୦୦୦ କୋଟି ଟଙ୍କାର ସହାୟତା ଦେଇଛନ୍ତି । ଏହି କାର୍ଯ୍ୟକ୍ରମ ଗରିବ ଲୋକର ସାମାଜିକ ସ୍ଥିତିରେ ଉନ୍ନତି ଆଣିଛି ।

କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ଲୋକଙ୍କ ପାଇଁ ଖାଦ୍ୟ ସୁରକ୍ଷା ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ । ଖାଦ୍ୟ ସୁରକ୍ଷାରେ ଓଡ଼ିଶା ଦେଶର ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି । ଏ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବକୁ ସେ ପ୍ରଶଂସା କରିଥିଲେ ।

Leave A Reply

Your email address will not be published.