ଭୁବନେଶ୍ବର : ରାଜ୍ୟରେ ବୃଦ୍ଧି ପାଉଛି ମହାମାରୀ କରୋନାର ପ୍ରଭାବ । ପ୍ରତିଦିନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ ପରିଚାଳନା ସଂପର୍କିତ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟ ପ୍ରଶାସନକୁ ୭ ସୂତ୍ରୀ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଜିଲ୍ଲାସ୍ତରରେ କୋଭିଡ ଚିକିତ୍ସା କେନ୍ଦ୍ର ଗୁଡିକରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ଏବଂ ମେଡିକାଲ ଅକ୍ସିଜେନ ସୁବିଧା ସବୁଠାରୁ ବଡ ପ୍ରାଥମିକତା । ଏହା ଉପରେ ୨୪ ଘଣ୍ଟିଆ ତଦାରଖ କରାଯିବା ଆବଶ୍ୟକତା ରହିଛି । ଅଧିକ କୋଭିଡ ସଂଖ୍ୟା ଥିବା ଅଞ୍ଚଳ ଗୁଡିକରେ testing, tracing ଓ containmentକୁ ଜୋରଦାର କରିବାକୁ କହିଛନ୍ତି ମୁଖ୍ରମନ୍ତ୍ରୀ । ସେହିପରି ଆଇସିୟୁ ଓ ଏଚଡିୟୁ ଦାୟିତ୍ବରେ ଥିବା ଡାକ୍ତରମାନଙ୍କ ଠାରୁ ସିଧାସଳଖ ଫିଡବ୍ୟାକ୍ ନେଇ ସେମାନଙ୍କ ମତାମତ ଭିତ୍ତିରେ ପଦକ୍ଷେପ ନେବାକୁ ସେ କହିଛନ୍ତି ।
ସେହିପରି ଟିକାକରଣ କାର୍ଯ୍ୟକ୍ରମ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ଏଥିପାଇଁ ତ୍ରୁଟି ଶୂନ୍ୟ ବ୍ୟବସ୍ଥା କରାଯାଉ । ମହାମାରୀ ସମୟରେ ବୟସ୍କ, ମହିଳା ଓ ଦୁର୍ବଳ ଶ୍ରେଣୀର ଲୋକଙ୍କର ଯତ୍ନ ନିଆଯାଉ । ତେବେ କୋଭିଡ ଚିକିତ୍ସା କରୁଥିବା ବେସରକାରୀ ମେଡିକାଲ ଉପରେ ସତର୍କ ଦୃଷ୍ଟି ରଖିବାକୁ କହିଛନ୍ତି ନବୀନ । ଘରୋଇ ହସ୍ପିଟାଲରେ ନିର୍ଦ୍ଧାରିତ ଫି’ ଠାରୁ ଅଧିକ ନେଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ ହସ୍ପିଟାଲ ଗୁଡିକରେ ହେଲ୍ପ ଲାଇନ ଗୁଡିକୁ ଅଧିକ କ୍ରିୟାଶୀଳ କରାଯାଉ ଏବଂ ରୋଗୀଙ୍କ ପରିବାର ବର୍ଗଙ୍କୁ ନିୟମିତ ସୂଚନା ଦିଆଯାଉ । ସେହିପରି ମହାମାରୀର କଠିନ ସମୟରେ ଦୁଃଖ ଓ ଦୁର୍ଦ୍ଦିନରେ ଥିବା ଲୋକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ବ୍ୟବହାର କରି ସାହାଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି ନବୀନ ।
Comments are closed.