Latest Odisha News

BREAKING NEWS

୧୦ ଦିନ ମଧ୍ୟରେ ସରକାରୀ, ବେସରକାରୀ ଓ କୋଭିଡ ହସ୍‌ପିଟାଲ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର : ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳଙ୍କ ସହିତ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରି କୋଭିଡ ପ୍ରସ୍ତୁତିକୁ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସରକାରୀ ତଥା ବେସରକାରୀ ସମସ୍ତ କୋଭିଡ ହସ୍‌ପିଟାଲକୁ ପ୍ରସ୍ତୁତ କରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦ୍ବିତୀୟ ଲହରୀର ସର୍ବୋଚ୍ଚ ସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁର ଆବଶ୍ୟକତା ହୋଇଥିଲା, ଅତି କମ୍‌ରେ ସେତିକି ପରିମାଣର ଶଯ୍ୟା ଓ ଆଇସିୟୁ ପ୍ରସ୍ତୁତ କରି ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

BjdElectrycity

ଜନସାଧାରଣଙ୍କ ଟିକାକରଣ ଲକ୍ଷ୍ୟ ପୂରଣ ପାଇଁ କ୍ୟାମ୍ପେନ ମୋଡ୍‌ରେ କାମ କରିବା ପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୧୫ ରୁ ୧୮ ବର୍ଷ ବର୍ଗର ପିଲାମାନଙ୍କ ଟିକାକରଣ ଉପରେ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଭୂତାଣୁ ସଂକ୍ରମଣକୁ କମ୍‌ କରିବା ପାଇଁ ଆମକୁ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପଡିବ । ତେବେ ଏଥିରେ ଯେପରି ଜନସାଧାରଣଙ୍କର ଜୀବିକା ଉପରେ କୌଣସି ପ୍ରଭାବ ନ ପଡେ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସାରା ଦେଶରେ ଓମିକ୍ରନ୍‌ ଭାରିଆଣ୍ଟ ଦ୍ରୁତ ଗତିରେ ସଂକ୍ରମଣ କରୁଛି । ଅଳ୍ପ ଦିନ ମଧ୍ୟରେ ରୋଗୀଙ୍କ ସଂଖ୍ୟା ଦୁଇ ଗୁଣ ହୋଇଯାଉଛି । ଦେଶରେ ଖୁବ ଶୀଘ୍ର ଲକ୍ଷ ଲକ୍ଷ ସଂଖ୍ୟାରେ କୋଭିଡ ରୋଗୀ ସଂକ୍ରମଣ ଦେଖା ଦେଇପାରେ । ଓଡିଶାରେ ମଧ୍ୟ ଓମିକ୍ରନ ରୋଗୀଙ୍କ ସଂଖ୍ୟା ବଢ଼ିବା ଆରମ୍ଭ ହୋଇଛି । ତେଣୁ ଜନସାଧାରଣଙ୍କୁ ବିଶେଷ ଅସୁବିଧାରେ ନ ପକାଇ କୋଭିଡର ଉତ୍ତମ ପରିଚାଳନା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଗତ ଲହରୀ ସମୟରେ ଅକ୍ସିଜେନ ପରିଚାଳନା, ସୂଚନା ଅଭିଯାନ, ଟ୍ରେନିଂ ମଡ୍ୟୁଲ ଆଦି ବ୍ୟବସ୍ଥା କରିବା ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ବ ଦିଆଯାଇଥିଲା । ବର୍ତ୍ତମାନ ପୁଣି ଅଧିକାରୀଙ୍କ ବିଭିନ୍ନ ମନିଟରିଂ ଗ୍ରୁପ ଓ ଜିଲ୍ଲାସ୍ତରୀୟ ଅବ୍‌ଜରଭର ବ୍ୟବସ୍ଥାକୁ ପୁନଃ କାର୍ଯ୍ୟକ୍ଷମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଯେହେତୁ ଏହି ଲହରୀରେ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାର ସମ୍ଭାବନା ରହିଛି, ତେଣୁ ସବୁ ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ କରିବାର ଆବଶ୍ୟକତା ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସତର୍କ ରହିବା ସହିତ ସମସ୍ତ କୋଭିଡ ନିୟମକୁ ପାଳନ କରିବା ଏବଂ ଦାୟିତ୍ବରେ ଥିବ ଅଧିକାରୀଙ୍କୁ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପଦକ୍ଷେପ ନେବା ପାଇଁ ସମସ୍ତ ସଂପୃକ୍ତ ପଦାଧିକାରୀ ଓ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯିବ । ବରିଷ୍ଠ ଅଧିକାରୀମାନେ ଜିଲ୍ଲାକୁ ଗସ୍ତ କରି ଜିଲ୍ଲାସ୍ତରରେ ପରିସ୍ଥିତିର ସମୀକ୍ଷା କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ବ୍ୟବସ୍ଥା କରିବେ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ।

ଓଡ଼ିଶାରେ ଓମିକ୍ରନର ସଂକ୍ରମଣ ସଂପର୍କରେ ସତର୍କ ଦୃଷ୍ଟି ରଖାଯାଇଛି ଏବଂ ବିଦେଶାଗତ ଲୋକଙ୍କ ନିୟମିତ ପରୀକ୍ଷା କରାଯାଉଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବଶୀଘ୍ର ଚିକିତ୍ସା ଗାଇଡଲାଇନ୍ ପ୍ରସ୍ତୁତ କରାଯିବ ବୋଲି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍‌.କେ. ଶର୍ମା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆବଶ୍ୟକ ପରିମାଣର ଔଷଧ, ଶଯ୍ୟା ଓ ଅକ୍ସିଜେନ ମହଜୁଦ ରହିଛି ବୋଲି ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.