Latest Odisha News

BREAKING NEWS

କୋଭିଡର ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ବର : କୋଭିଡର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସତର୍କ ରହିବା ସହିତ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ଏବଂ ସରକାରଙ୍କୁ ପୂର୍ଣ୍ଣ ସହଯୋଗ ଯୋଗାଇ ଦେବା ପାଇଁ ଅନୁରୋଧ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡର ନୂଆ ଭାରିଏଣ୍ଟର ଭୟଭୟତା ସଂପର୍କରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସବୁ ଦେଶକୁ ସତର୍କ କରାଇ ଦେଇଛନ୍ତି ଏବଂ ଏହା ଗୁରୁତର ପ୍ରଭାବ ପକାଇବାର ମଧ୍ୟ ଆଶଙ୍କା କରିଛନ୍ତି । ଗତ କିଛି ସପ୍ତାହ ହେଲା ୟୁରୋପରେ ସଂକ୍ରମଣ ବୃଦ୍ଧି ପାଇଛି । ଏହି ନୂଆ ଭାରିଏଣ୍ଟ ଅଧିକ ସଂକ୍ରମଣଶୀଳ ଥିବାରୁ ଜନସାଧାରଣ ଏହାକୁ ଗୁରୁତର ସହ ନେବା ପାଇଁ ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରଥମରୁ ହିଁ ଓଡିଶା ଏହି ମହାମୀରୀ ମୁକାବିଲା ପାଇଁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିଆସିଛି । ଆହ୍ବାନମୂଳକ ପରିସ୍ଥିତି ସତ୍ତ୍ବେ ଜନସାଧାରଣଙ୍କ ସହଯୋଗରେ ଓଡିଶା ସଫଳତାର ସହିତ ପ୍ରଥମ ଓ ଦ୍ବିତୀୟ ଲହରୀର ମୁକାବିଲା କରିଥିଲା ଏବଂ ବର୍ତ୍ତମାନ ପରିସ୍ଥିତିର ଆମେ ମଧ୍ୟ ସଫଳ ମୁକାବିଲା କରିପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ ଆଶାବ୍ୟକ୍ତ କରିଥିଲେ ।

ଏହି ପରିପ୍ରେକ୍ଷୀରେ କୋଭିଡ ମୁକାବିଲା ପାଇଁ ପ୍ରସ୍ତୁତିକୁ ପୁଣି ଥରେ ପୁନଃ ସକ୍ରିୟ କରିବା ସହିତ ଡାକ୍ତର, ନର୍ସ, ସ୍ୱାସ୍ଥ୍ୟକର୍ମୀଙ୍କ ସମେତ ଏଥିରେ ସଂଶ୍ଲିଷ୍ଟ ସମସ୍ତ ଅଧିକାରୀଙ୍କୁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଥିଲେ । କୋଭିଡ ନିୟମର ଯେପରି କଡାକଡି ପାଳନ କରାଯିବ, ସେଥିପ୍ରତି ସତର୍କ ପଦକ୍ଷେପ ନେବା ପାଇଁ ପୋଲିସ ମହାନିର୍ଦ୍ଦେଶକଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । ଏହାସହିତ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା ଆଦି କୋଭିଡ ନିୟମ ସଂପର୍କରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।

ପଞ୍ଚାୟତ ପ୍ରତିନିଧିଙ୍କ ଠାରୁ ଆରମ୍ଭ କରି ମିଶନ ଶକ୍ତି ଗ୍ରୁପ ପର୍ଯ୍ୟନ୍ତ ସମାଜର ସବୁ ବର୍ଗର ଲୋକଙ୍କୁ ସାମିଲ କରି ସଚେତନତା ତଥା କୋଭିଡ ନିୟମ ଅନୁପାଳନକୁ ସୁନିଶ୍ଚିତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଆଲୋଚନାରେ ଭାଗ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କହିଲେ ଯେ, ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ପୁରାପୁରି ସତର୍କ ଅଛନ୍ତି । କୋଭିଡ ଭିତ୍ତିଭୂମିକୁ ସୁଦୃଢ ରହିଛି ଏବଂ ଏହାକୁ ଆହୁରି ଅଧିକ ଜୋରଦାର କରିବା ପାଇଁ ପଦକ୍ଷେପ ନିଆଯାଉଛି । ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ କୁମାର ଶର୍ମା କୋଭିଡ ମୁକାବିଲା ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । ରାଜ୍ୟରେ ବର୍ତ୍ତମାନ ଟେଷ୍ଟ ପଜିଟିଭ ହାର ମାତ୍ର ୦.୪୪ ପ୍ରତିଶତ ରହିଛି । ଚାରିଟି ଜିଲ୍ଲା ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ସମ୍ବଲପୁରର କିଛି ଅଂଚଳରେ ଅପେକ୍ଷାକୃତ ଅଧିକ କେସ୍ ବାହାରିଥିଲେ ମଧ୍ୟ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ।

ନୂଆ ରୋଗୀମାନଙ୍କର ଜିନୋମ ସିକ୍ବେନ୍ସିଂ ପାଇଁ ମଧ୍ୟ ନମୁନା ପଠାଯାଉଛି । ରାଜ୍ୟରେ ପ୍ରଥମ ଡୋଜ ଟିକାକରଣ ୮୫.୬ ପ୍ରତିଶତ ଥିବା ବେଳେ, ଦ୍ବିତୀୟ ଡୋଜ ଟିକାକରଣ ୪୮.୪ ପ୍ରତିଶତ ରହିଛି, ଯାହା କି ଜାତୀୟ ହାର ଠାରୁ ଉନ୍ନତ ରହିଛି । ଘରକୁ ଘର ବୁଲି ଟିକାକରଣ କାର୍ଯ୍ୟକୁ ତ୍ବରାନ୍ବିତ କରାଯାଉଛି । ଆଲୋଚନାରେ ଭାଗ ନେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କୋଭିଡରୁ ମୁକାବିଲା ପାଇଁ ପ୍ରସ୍ତୁତିକୁ ଆହୁରି ଉନ୍ନତ କରିବା, ଅକ୍ସିଜେନ ଯୋଗାଣକୁ ଆହୁରି ମଜବୁତ କରିବା ଏବଂ ଘରୋଇ ହସ୍‌ପିଟାଲ ଗୁଡିକୁ କୋଭିଡ ଚିକିତ୍ସା ପାଇଁ ପ୍ରସ୍ତୁତି ରଖିବା ଉପରେ ଗୁରୁତ୍ବ ଦେଇଥିଲେ । ବୈଠକରେ ପୋଲିସ ମହାନିର୍ଦ୍ଦେଶକ ଅଭୟ, ପୋଲିସ କମିଶନରଙ୍କ ସମେତ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ, ମହାନଗର ନିଗମର କମିଶନର ଏବଂ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।

Leave A Reply

Your email address will not be published.