Latest Odisha News

ରାଜ୍ୟପାଳଙ୍କ ପୁଅ ବିରୋଧରେ ରାଜଭବନ ଆଗରେ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ବର: ରାଜଭବନ ଆଗରେ ବିକ୍ଷୋଭ କରୁଛି କଂଗ୍ରେସ । ଯୁବ ଓ ଛାତ୍ର କଂଗ୍ରେସ ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିଥିବା ଅଭିଯୋଗରେ ରାଜଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ନାରାବାଜି ଆରମ୍ଭ କରିଚନ୍ତି । ଏହା ସହିତ ଏଭଳି ଘଟଣା ପାଇଁ ରାଜ୍ୟପାଳ ଇସ୍ତଫା ଦେବା ସହିତ ଦୋଷୀ ବିରୋଧରେ ଉପଯୁକ୍ତ କାର୍ଯ୍ୟନୁଷ୍ଠାନ ନେବା ପାଇଁ ଦାବି କରିଛି କଂଗ୍ରେସ ।

ତେବେ କହିରଖୁଛୁ,  ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଲିତ କୁମାର, ରଥଯାତ୍ରା ସମୟରେ ରାଜ୍ୟପାଳ ପୁରୀ ରାଜଭବନରେ ଥିବା ସମୟରେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସଓ) ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏନେଇ ଶନିବାର, ମାଡ଼ ମାରିଥିବା ନେଇ ପୁରୀ ସମୂଦ୍ରକୂଳ ଥାନାରେ ଏତଲା ଦେଇଛନ୍ତି ବୈକୁଣ୍ଠ।

ସଂସଦୀୟ ବ୍ୟାପାର ବିଭାଗର ଏଏସଓ ବୈକୁଣ୍ଠ ପ୍ରଧାନଙ୍କ କହିବା ଅନୁଯାୟୀ, ପୁରୀରେ ରଥଯାତ୍ରା ରାତିରେ ରାଜଭବନରେ ଲଳିତ ଓ ଅନ୍ୟ ୫ ଜଣ ତାଙ୍କୁ ମାଡ଼ ମାରିଥିଲେ। ଏନେଇ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଅବଗତ କରିଥିଲେ ଏବଂ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଗୁହାରି କରିଥିଲେ। କିନ୍ତୁ କିଛି ସୁଫଳ ନ ମିଳିବାରୁ ବୁଧବାର ପୁଣିଥରେ ବୈକୁଣ୍ଠନାଥ ଲିଖିତ ଅଭିଯୋଗ କରିଥିବା ସୂଚନା ମିଳିଛି ।

ବୈକୁଣ୍ଠ ପ୍ରଧାନ ଦାୟର କରିଥିବା ଏତଲା ଅନୁଯାୟୀ, ଜୁଲାଇ ୭ ଓ ୮ ତାରିଖ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରହଣି ବ୍ୟବସ୍ଥା ତଦାରଖ ପାଇଁ ତାଙ୍କୁ ରାଜଭବନରେ ନିୟୋଜିତ କରାଯାଇଥିଲା। କିନ୍ତୁ ସେହି ରାତି ପ୍ରାୟ ୧୧ଟା ୪୫ମିନିଟରେ ସେ ରାଜଭବନସ୍ଥିତ ଅଫିସ ରୁମରେ ବସିଥିବାବେଳେ ରାଜ୍ୟପାଳଙ୍କ ବ୍ୟକ୍ତିଗତ ରୋଷେୟା ଆକାଶ ସିଂ ତାଙ୍କ ପାଖକୁ ଆସି ଲଳିତ କୁମାର ଡାକୁଥିବା କହିଥିଲେ। ଲଳିତଙ୍କୁ ଭେଟିବାକୁ ସେ ଯାଇଥିଲେ କିନ୍ତୁ ତାଙ୍କୁ ଦେଖୁଦେଖୁ ଲଳିତ ଉତକ୍ଷିପ୍ତ ହୋଇ ଅତ୍ୟନ୍ତ ଆଶାଳୀନ ଭାଷାରେ ବଡ଼ ପାଟିରେ ଗାଳିଗୁଲଜ କରିଥିଲେ। ତାଙ୍କର ଏଭଳି ଆଚରଣକୁ ପ୍ରତିବାଦ କରିବାରୁ ଲଳିତ ତାଙ୍କୁ ଚାପୁଡ଼ା ମାରିବା ଆରମ୍ଭ କରିଥିଲେ। ନିଜକୁ ଅସହାୟ ମଣି ସେ ଉକ୍ତ ରୁମରୁ ଦୌଡ଼ି ପଳାଇ ଆସି ଆନେକ୍ସ ବିଲିଡିଂରେ ଲୁଚି ରହିବାକୁ ଚେଷ୍ଟା କରିଥିଲେ। ମାତ୍ର ଲଳିତଙ୍କର ଦୁଇଜଣ ପିଏସଓ ତାଙ୍କୁ ଖୋଜି ପୁଣିଥରେ ଲଳିତଙ୍କ ପାଖକୁ ଟେକି ନେଇଯାଇଥିଲେ ଆଉ ସେଠାରେ ତାଙ୍କ ମୁହଁକୁ ଚାପୁଡ଼ା ସହ ଶରୀରର ବିଭିନ୍ନ ଭାଗକୁ ଗୋଇଠା ମାରିଥିଲେ ଏବଂ ଲଳିତ ତାଙ୍କୁ ହତ୍ୟା ପାଇଁ ଧମକ ଦେବା ସହ କେହିବି ତାଙ୍କୁ ବଞ୍ଚାଇ ପାରିବେ ନାହିଁ ବୋଲି ଚେତାବନୀ ଦେଇଥିବା ନେଇ ଏଏସଓ ବୈକୁଣ୍ଠନାଥ ଅଭିଯୋଗ କରିଛନ୍ତି।

ତେଣୁ ଏସମସ୍ତ ଘଟଣା ପ୍ରତି ଦୃଷ୍ଟି ଦେଇ ତାଙ୍କୁ ନ୍ୟାୟ ଦେବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବୈକୁଣ୍ଠନାଥ ଦାବି କରିଛନ୍ତି । ସେପଟେ ଏନେଇ ମାମଲା ରୁଜ୍ଜୁ ହୋଇଥିଲେ ମଧ୍ୟ ଏନେଇ ରାଜ୍ୟପାଳଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

Comments are closed.