ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ ବିଜୁଳି ଘଡଘଡି ଓ ବର୍ଷା ହୋଇଛି । ତେବେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ପରବର୍ତ୍ତୀ ୩ ଦିନ ଅର୍ଥାତ୍ ମେ’ ୩ ତାରିଖ ପରେ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।
ଆଜି ସମସ୍ତ ସହରର ତାପମାତ୍ରା ୪୦ ଡିଗ୍ରି ତଳକୁ ଖସିବା ସହ ଝାରସୁଗୁଡ଼ାର ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୯.୮ ଡିଗ୍ରି ରହିଥିଲା । କେନ୍ଦୁଝରରେ ସର୍ବାଧିକ ୩୧.୨ ମିମି ବର୍ଷା ହୋଇଛି ।
ଅନ୍ୟପଟେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ ଏବଂ ଢେଙ୍କାନାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ଘଣ୍ଟାପ୍ରତି ୪୦ରୁ ୫୦କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ଏସବୁ ଜିଲ୍ଲାଗୁଡ଼ିକୁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୁବର୍ଣ୍ଣପୁର, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରୁ କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
Comments are closed.