ଦେବସ୍ନାନ ପୂର୍ଣ୍ଣିମା: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜନ୍ମ ମହୋତ୍ସବ

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ)

ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା ସମୟରେ ଶ୍ରୀମନ୍ଦିରରେ ଦାରୁବ୍ରହ୍ମ ରୂପୀ ବଡ଼ଠାକୁର ଶ୍ରୀ ବଳଭଦ୍ର, ଜଗତର ନାଥ ଶ୍ରୀ ଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ମହାସ୍ନାନ ହୋଇଥାଏ । ଏହି ଅବସରରେ ଶ୍ରୀଜୀଉମାନଙ୍କର ଜନ୍ମ ଉତ୍ସବ ପାଳନ ବିଧି ରହିଥିବା ବେଳେ ଚତୁର୍ଦ୍ଧା ମୂରତି ଗଜାନନ ବେଶ ଧାରଣ କରିଥାଆନ୍ତି ।

।। ଦେବସ୍ନାନ ପୂର୍ଣ୍ଣିମା ବା ଶ୍ରୀଜଗନ୍ନାଥାଦିଙ୍କ ଜନ୍ମୋତ୍ସବ।।
“ ଦକ୍ଷିଣାଭିମୁଖେ ଵିଷ୍ଣୌ ସ୍ନାନକାଳେ ନୃପୋତ୍ତମ।
ବିଷ୍ଣୋର୍ନିରାଜନବିଧିଂ ଯେ ପଶ୍ୟନ୍ତି ଚ ଭକ୍ତିତଃ ।।
ପଦେ ପଦେऽଶ୍ବମେଧାନାଂ ଫଳଂ ତେଷାଂ ଭବେତ୍ ଧୃବମ୍ ।
ମନୋରଥସ୍ୟ ସଂସିଦ୍ଧିସ୍ତେଷାଂ ଭବତି ତତ୍-କ୍ଷଣାତ୍ ।
ଅନ୍ତେ ବୈକୁଣ୍ଠଭବନଂ ତେ ଚ ଗଚ୍ଛନ୍ତି ମାନବାଃ ।। “
( ସ୍କନ୍ଦ ପୁରାଣ, ଉତ୍କଳ ଖଣ୍ଡ )

ସ୍ନାନମଣ୍ଡପରେ ଦକ୍ଷିଣାଭିମୁଖି ଶ୍ରୀଜଗନ୍ନାଥାଦିଙ୍କୁ ଯେଉଁମାନେ ଭକ୍ତି ସହକାରେ ଦର୍ଶନ ବା ଆରତୀ କରନ୍ତି ସେମାନେ ଅଶ୍ୱମେଧ ଯଜ୍ଞର ଫଳଲାଭ କରଥାନ୍ତି । ସେମାନଙ୍କର ସକଳ ମନୋରଥ ପୂରଣ ହୋଇଥାଏ । ଅନ୍ତ କାଳରେ ସେମାନେ ବୈକୁଣ୍ଠ ପୁରକୁ ଗମନ କରନ୍ତି ।

ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ବା ମଞ୍ଚସ୍ନାନ ଏକ ଶାସ୍ତ୍ରୀୟ ଭିତ୍ତ ଭୂମିର ଲୀଳା । ଏହାହିଁ ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ଵନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ ।

ଜ୍ୟେଷ୍ଠ ପୂର୍ଣ୍ଣିମା ଦିବସରେ ମହାପ୍ରଭୁଙ୍କ ଆବିର୍ଭାବ:

ସାଧାରଣତଃ, ବର୍ଷରେ ଥରୁଟିଏ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଶ୍ରୀଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।

ଦାରୁବ୍ରହ୍ମଙ୍କ ଲୀଳାକ୍ଷେତ୍ର ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ବା ମଞ୍ଚସ୍ନାନ ଏକ ଶାସ୍ତ୍ରୀୟ ଭିତ୍ତ ଭୂମିର ଲୀଳା । ମହାପ୍ରଭୁଙ୍କ ଆବିର୍ଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବାରୁ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି କୁହାଯାଏ । ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ଏହି ସ୍ନାନଲୀଳା କରାଇଥିଲେ ମହାରାଜା ଇନ୍ଦ୍ରଦ୍ୟୁମ । ସେତେବେଳେ ସ୍ନାନମଣ୍ଡପ ନଥିବାରୁ ଏକ କାଠର ମଞ୍ଚ ନିର୍ମାଣ କରାଯାଇ ତାହା ଉପରେ ସ୍ନାନବିଧି ସମାପନ ହୋଇଥିଲା । ସେଥିପାଇଁ ଅନେକ ଶାସ୍ତ୍ରରେ ଏହା ମଞ୍ଚସ୍ନାନ ବୋଲି ଉଲ୍ଲେଖ ହୋଇଛି । ଶାସ୍ତ୍ରମତରେ, ୧୦୮ ସୁନା କଳସରେ ଅଭିମନ୍ତ୍ରିତ ପବିତ୍ର ଜଳରେ ଦାରୁବ୍ରହଙ୍କ ଆଦ୍ୟ ସ୍ଥାନଲୀଳା ସମାପନ ହୋଇଥିଲା । ସେହି ଶାସ୍ତ୍ରୀୟ ମତକୁ ଅନୁସରଣ କରି ଆଜି ବି ସେହିପରି ସ୍ନାନଯାତ୍ରା ଅନୁଷ୍ଠିତ ହେଉଅଛି । ସୂଚନାଯୋଗ୍ୟ, ଶାସ୍ତ୍ର ମତରେ ଜ୍ୟେଷ୍ଠ ପୂର୍ଣ୍ଣିମା ଦିବସରେ ମହାପ୍ରଭୁଙ୍କ ଆବିର୍ଭାବ ହୋଇଥିଲା । ଜ୍ୟେଷ୍ଠ ମାସ ପୂର୍ଣ୍ଣମୀରେ ମହାପ୍ରଭୁଙ୍କ ପ୍ରଥମ ସ୍ଥାନଲୀଳା ଜାତି, ବର୍ଣ୍ଣ, ନିର୍ବଶେଷରେ ସମସ୍ତେ ଦର୍ଶନ କରିଥିବାରୁ ଏହି ଲୀଳାକୁ ପତିତପାବନ ଲୀଳା କୁହାଯାଏ ।

ସ୍ନାନ ପୂର୍ଣ୍ଣିମା ପୂର୍ବଦିନ ସାଧାରଣ ଦିନ ପରି ଶ୍ରୀମନ୍ଦିରରେ କବାଟ ଫିଟା, ପାହାନ୍ତିଆ ଅବକାଶ, ଗୋପାଳ ବଲ୍ଲଭ, ସକାଳଧୂପ, ଦ୍ଵିପ୍ରହର ଧୂପ ଆଦି ସମସ୍ତ ନୀତିର ସମାପନ ପରେ ସ୍ଵଳ୍ପସମୟ ପାଇଁ ପହୁଡ଼ ହୁଏ ଓ ପରେ ପରେ ସ୍ନାନ ପୂର୍ଣ୍ଣିମାର ବିଧି ଆରମ୍ଭ ହେଇଯାଏ । ଏହିଦିନ କୋଠ ସିଆଁସିଆ ମନ୍ଦିରରେ ପ୍ରବେଶ କରନ୍ତି ଓ ପହଣ୍ଡି ପାଇଁ ଚାରମାଳ ବାନ୍ଧନ୍ତି l ପ୍ରଭୁଙ୍କର ସେନାପଟା ଓ ବାହୁଟିନାଗି ହୁଏ । ରତ୍ନ ସିଂହାସନ ଉପରେ ମଙ୍ଗଳାର୍ପଣ କରାଯାଏ ।

ଶୀତଳା ଠାକୁରାଣୀଙ୍କ କୂଅରୁ ଆସେ ଶୀତଳ ଜଳ:

ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦଇତାମାନେ ପହଣ୍ଡି କରାଉଥିବା ବେଳେ ମଦନମୋହନଙ୍କୁ କେବଳ ମହାଜନ ସେବକମାନେ (ବ୍ରାହ୍ମଣ ଗୋଷ୍ଠୀର ସେବକ) ବିଜେ କରାଇଥାନ୍ତି । ପହଣ୍ଡି ବିଜେ ସମୟରେ ସାତ ପାହଚ ଉପରେ ଠାକୁରମାନେ ଚୂଳ ଓ ଟାହିଆ ଲାଗି ହୁଅନ୍ତି । ଏହି ସାତପାହଚ ଉପରେ ଟାହିଆ ନାଗି ହେବାପରେ ଦ୍ଵିତୀୟ ମଙ୍ଗଳାର୍ପଣ ହୁଏ । ତା ପରେ ବନ୍ଦାପନା ଓ ପରେ ପରେ ରାଘବଦାସ ମଠରୁ ଆସିଥିବା ଘଷା ନାଗି କରାଯାଏ । ତା ପରେ ପନ୍ତି ଖାଇ ଖାଇ ଠାକୁରମାନେ ସ୍ନାନବେଦିକୁ ଯାଇ ନିଜର ଆସ୍ଥାନ ଉପରେ ଅବସ୍ଥାନ କରନ୍ତି l ସୁଆର ବଡୁ ଅମ୍ଭୂଣିଆ ପାଣି ଛିଞ୍ଚନ୍ତି l ଗରାବଡୁ ସୁବର୍ଣ୍ଣକଳସ ଧରି ଶୀତଳାଦେବୀଙ୍କ ସମ୍ମୁଖସ୍ଥ ଓ ବର୍ଷତମାମ ଅପବ୍ୟବହୃତ ହୋଇ ରହିଥିବା ସ୍ଵର୍ଣ୍ଣକୂପରୁ ଜଳ ଆଣନ୍ତି । ଦେବସ୍ଥାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଯେପରି ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ ।

୧୦୮ ଗରା ଜଳରେ ସ୍ନାନ କରନ୍ତି ଶ୍ରୀଜୀଉ:

ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ, ଏହି କୂଅକୁ ‘ପ୍ରଣୀତାକୂପ’ ବୋଲି କୁହାଯାଏ । ପ୍ରାଚୀନ କାଳରେ ମଧ୍ୟ ଓଡ଼ିଶାରେ ଛୁଆଟିଏ ଜନ୍ମ ହେଲେ ତାହାକୁ ଅଣତୁଠ ପାଣି ମିଶ୍ରଣ କରାଯାଇ ସ୍ନାନ କରିବାର ପରମ୍ପରା ରହିଥଲା । ଏହାଦ୍ଵାରା ଦୁଷ୍ଟ ଶକ୍ତିଙ୍କ ପ୍ରଭାବ କଅଁଳା ପିଲାଙ୍କ ଉପରେ ପଡ଼େନାହିଁ । ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ l ଏହି ଜଳରୁ ୩୫ ଗରା ଶ୍ରୀଜଗନ୍ନାଥଙ୍କୁ, ୩୩ ଗରା ଶ୍ରୀବଳଭଦ୍ରଙ୍କୁ, ୩୨ ଗରା ମା’ ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ । ଏହାକୁ “ପ୍ରତ୍ୟେକ୍ଷ ଅବକାଶ” କହନ୍ତି । ମହାପ୍ରଭୁଙ୍କୁ ଏହି ଦିନ ଗଜାନନ ବେଶ କରାଯାଏ । ଏହି ଦିନ ରାଘବଦାସ ମଠ ପକ୍ଷରୁ ଦେବୀ ସୁଭଦ୍ରାଙ୍କୁ ଫୁଲଚୂଳ, ଚନ୍ଦ୍ରିକା ଓ ଛତ୍ରି ନାଗି କରାଯାଇ ବେଶ କରାଯାଏ । ଗୋପାଳ ତୀର୍ଥ ମଠଦ୍ଵାରା ପ୍ରଦତ୍ତ ଶ୍ରୀବଳଭଦ୍ରଙ୍କୁ ଗଜାନନ ବେଶ ଓ ସୁଦର୍ଶନଙ୍କୁ ଚକ୍ର ଲାଗି କରାଯାଏ । ଏହି ଦିନ ତିନି ଧୂପ ବଦଳରେ ଗୋଟିଏ ଧୂପ ଦିଆଯାଏ ।

ତା’ପରେ ଠାକୁରମାନେ ଶ୍ରୀମନ୍ଦିରକୁ ଗୋଟି ପହଣ୍ଡିରେ ଫେରନ୍ତି । ଭିତର କାଠପାଖ ଅଣସର ପିଣ୍ଡିରେ ଠାକୁରମାନେ ବିଜେ କରିବାପରେ ତାଟି ବନ୍ଧାଯାଏ ଓ ପଟିମୂର୍ତି ସ୍ଥାପନା କରାଯାଏ । ତାପରେ ଏହି ଚତୁର୍ଧାମୂର୍ତ୍ତି ସ୍ନାନପୂର୍ଣ୍ଣିମା ଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଦିର୍ଘ ୧୫ ଦିନ ଧରି ଜ୍ଵରରେ ପଡ଼ନ୍ତି । ଏହାକୁ ଅଣସର କୁହାଯାଏ । ଏହି ୧୫ ଦିନ ଭକ୍ତମାନେ ଜିଉମାନଙ୍କର ଦର୍ଶନ ପାଆନ୍ତି ନାହିଁ । ଏହି ସମୟରେ ଭକ୍ତମାନେ ନିକଟସ୍ଥ ବ୍ରହ୍ମଗିରିରେ ପୂଜିତ ହେଉଥିବା ଅଲାରନାଥଙ୍କୁ ଦର୍ଶନ କରନ୍ତି ।

(ଲେଖକ ଜଣେ ପ୍ରତିଷ୍ଠିତ ଓଡ଼ିଶୀ ନୃତ୍ୟଶିଳ୍ପୀ ଏବଂ ସ୍ତମ୍ଭକାର)

ବିଶେଷ ଦ୍ରଷ୍ଟବ୍ୟ: ଏହି ସ୍ତମ୍ଭରେ ପ୍ରକାଶିତ ହୋଇଥିବା ବିଚାର ବା ମତ ସମ୍ପୂର୍ଣ୍ଣ ଭାବେ ଲେଖକଙ୍କର ନିଜସ୍ୱ ଅଟେ । ଏହି ସ୍ତମ୍ଭରେ ପ୍ରକାଶିତ କୌଣସି ଅଂଶ ଲାଗି Odishasambad.in ର ସମ୍ପାଦନା ମଣ୍ଡଳୀ ଦାୟୀ ନୁହଁନ୍ତି ।