Latest Odisha News

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ୬ଟି ଜିଲ୍ଲାର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା

ଭୁବନେଶ୍ୱର: ଆଜି ଭୁବନେଶ୍ୱର ସ୍ଥିତ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ ଠାରେ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ । ଏହି ସମୀକ୍ଷା ବୈଠକରେ ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଇତ୍ୟାଦି ୬ଟି ଜିଲ୍ଲା ଅଧିନରେ ଆସୁଥିବା ସମସ୍ତ ସଂସଦୀୟ ନିର୍ବାଚନ କ୍ଷେତ୍ର ଓ ବିଧାନସଭା ନିର୍ବାଚନ କ୍ଷେତ୍ରରେ ନିର୍ବାଚନ ପ୍ରସ୍ତୁତି ବିଷୟରେ ବ୍ୟାପକ ଆଲୋଚନା ହୋଇଥିଲା ।

ସମୀକ୍ଷା ବୈଠକ ପ୍ରାରମ୍ଭରେ ଦେଶରେ ମୁକ୍ତ, ଅବାଧ, ସ୍ୱଚ୍ଛ, ନିରପେକ୍ଷ, ଶୃଙ୍ଖଳାଯୁକ୍ତ, ତ୍ରୁଟିଶୂନ୍ୟ ତଥା ସମସ୍ତଙ୍କ ଅଂଶଗ୍ରହଣରେ ପରିପୁଷ୍ଟ ଭାରତୀୟ ଗଣତନ୍ତ୍ରର ମହାନ ପର୍ବ ‘ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪’ କୁ ଓଡ଼ିଶାରେ ସବୁମତେ ସଫଳ କରାଇବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଙ୍ଗୀକାରବଦ୍ଧତା ବିଷୟରେ ସ୍ପଷ୍ଟ ମତ ରଖିଥିଲେ । ଏହି ବୈଠକରେ ୬ଟି ଜିଲ୍ଲାର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀମାନେ ପିପିଟି ପ୍ରେଜେଣ୍ଟେସନ୍‌ ମାଧ୍ୟମରେ ସଂପୃକ୍ତ ଜିଲ୍ଲାଗୁଡ଼ିକର ନିର୍ବାଚନ ପ୍ରସ୍ତୁତି ବିଷୟରେ ସବିଶେଷ ତଥ୍ୟ ରଖିଥିଲେ । ସେସବୁ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା ।

ଏହି ସମସ୍ତ ତଥ୍ୟର ତର୍ଜମା କରି ମୁଖ୍ୟ ନିର୍ବାଚନ ଅଧିକାରୀ ବୁଥ୍‌ ସ୍ତରରୁ ତ୍ରୁଟିଶୂନ୍ୟ ନିର୍ବାଚନ ପରିଚାଳନା କରିବା ପାଇଁ ଉପସ୍ଥିତ ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ, ଆରକ୍ଷୀ ଅଧୀକ୍ଷକ, ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ, ବରିଷ୍ଠ ପୋଲିସ ଅଧିକାରୀ ଓ ରିଟର୍ଣ୍ଣିଂ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଆଦର୍ଶ ନିର୍ବାଚନ ପରିଚାଳନା ପାଇଁ ସି-ଭିଜିଲ୍‌, ସୁବିଧା ପୋର୍ଟାଲ, ଏନ୍‌କୋର୍‌ ନୋଡ଼ାଲ ଆପ୍‌ର ବ୍ୟବହାର ସହ ଭିନ୍ନକ୍ଷମ ଭୋଟର ଓ ବରିଷ୍ଠନାଗରିକ ଭୋଟରଙ୍କ ସୁବିଧା, ପୋଷ୍ଟାଲ ବାଲାଟ୍‌, ନିର୍ବାଚନ ଆଚରଣ ବିଧିର ଯଥାର୍ଥ ଅନୁପାଳନ ଉପରେ ଦୃଷ୍ଟି ରଖିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ପରାମର୍ଶ ଦେଇଥିଲେ । ମହିଳା ଓ ଯୁବ ଭୋଟରମାନଙ୍କୁ ମତଦାନ ପାଇଁ ଉତ୍ସାହିତ କରିବାକୁ ଶ୍ରୀ ଧଳ ପରାମର୍ଶ ଦେଇଥିଲେ । ନିର୍ବାଚନକୁ ଦେଶର ସର୍ବବୃହତ୍‌ ପର୍ବ ରୂପେ ପାଳନ କରି ଅଧିକରୁ ଅଧିକ ଭୋଟର ଯେପରି ମତଦାନ କରିବେ ସେ ଉପରେ ବିଶେଷ ଆଲୋଚନା ହୋଇଥିଲା । ନିର୍ବାଚନ ପରିଚାଳନାରେ ‘ମତଦାତା’ ମାନଙ୍କୁ କେନ୍ଦ୍ରରେ ରଖି ସମସ୍ତ କାର୍ଯ୍ୟ ସଂପାଦନ କରିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ଦ୍ଦେଶ ଦେଇଥିଲେ ।

ନିର୍ବାଚନ ପ୍ରସ୍ତୁତିରେ ଆଇନଶୃଙ୍ଖଳା ଦିଗ ଉପରେ ମଧ୍ୟ ବିଶେଷ ଆଲୋଚନା ହୋଇଥିଲା । ପ୍ରତିଟି ବୁଥ୍‌ ଯେପରି ସୁରକ୍ଷା ବଳୟ ମଧ୍ୟରେ ରହିବ ଓ ଇଭିଏମ୍‌-ଭିଭିପାଟ୍‌ ମତଗଣନା ପର୍ଯ୍ୟନ୍ତ ସଂପୂର୍ଣ୍ଣ ସୁରକ୍ଷା ମଧ୍ୟରେ ରହିବ ସେ ବିଷୟରେ ଆଲୋଚନା ହୋଇଥିଲା । ନିର୍ବାଚନରେ ଆଦର୍ଶ ଆଚରଣ ବିଧିର ଉଚିତ ଅନୁପାଳନ ପାଇଁ ଜିଲ୍ଲା ପ୍ରଶାସନ, ପୋଲିସ ପ୍ରଶାସନ, ବିଭିନ୍ନ ପ୍ରବର୍ତ୍ତନ ବିଭାଗ ଯଥା-ଅବକାରୀ, ଜିଏସ୍‌ଟି, ପରିବହନ, ଜଙ୍ଗଲ ବିଭାଗ ସମନ୍ୱିତ ଭାବରେ କାର୍ଯ୍ୟ କରିବାକୁ ଶ୍ରୀ ଧଳ ନିର୍ଦ୍ଦେଶ ଦେଇଥିଲେ ।

ଏହି ଅବସରରେ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ମଧ୍ୟରେ ଓଡ଼ିଶାରେ ବିନା କୌଣସି ଜନଜୀବନ ହାନିରେ ଉଚ୍ଚ ମତଦାନ ହାରକୁ ବଜାୟ ରଖିବା ସହ ତ୍ରୁଟିଶୂନ୍ୟ ନିର୍ବାଚନ ପ୍ରକ୍ରିୟାର ଆହ୍ୱାନ ବିଷୟରେ ଅବଗତ କରାଇଥିଲେ । ମତଦାନ ଦିବସ ଓ ମତଗଣନା ଦିବସରେ ଯେପରି ଭାବରେ ବିନା କୌଣସି ବାଧାବିଘ୍ନରେ ସମସ୍ତ କାର୍ଯ୍ୟ ସମାପନ ହେବ, ସେଥିପାଇଁ ବିଭିନ୍ନ ବିଭାଗର ସମନ୍ୱୟ ଉପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଜୋର ଦେଇଥିଲେ ।

ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତ ମତଦାନ କେନ୍ଦ୍ରରେ ବିଶେଷ ବ୍ୟବସ୍ଥା କରାଯିବ । ପ୍ରତିଟି ମତଦାନ କେନ୍ଦ୍ରରେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ, ମହିଳା ଓ ପୁରୁଷଙ୍କ ପାଇଁ ସ୍ୱତନ୍ତ୍ର ଶୌଚାଳୟ, ଧାଡ଼ିବାନ୍ଧିବା ପାଇଁ ଛାଇ, ଚୌକି ଓ ପ୍ରତୀକ୍ଷା କକ୍ଷର ବ୍ୟବସ୍ଥା ରହିବ । ଏହି ସ୍ଥାନରେ ନିରବଚ୍ଛିନ୍ନ ବିଦ୍ୟୁତ୍ ବ୍ୟବସ୍ଥା ସହ ପଙ୍ଖା ରହିବ । ସମସ୍ତ ମତଦାନ କେନ୍ଦ୍ରରେ ଜଣେ ଲେଖାଏଁ ଆଶାକର୍ମୀ ରହିବେ । ସେମାନଙ୍କ ପାଖରେ ଅଂଶୁଘାତ ମୁକାବିଲା ପାଇଁ ଅତ୍ୟାବଶ୍ୟକ ଔଷଧପତ୍ର ରହିବ ।

ପ୍ରତିଟି ସେକଫର ଅଫିସରଙ୍କ ସହ ଜଣେ ପାରା-ମେଡ଼ିକାଲ କର୍ମୀ ମଧ୍ୟ ରହିବେ । ଯଦି ଦୈବାତ କେହି ଅଂଶୁଘାତର ଶିକାର ହୁଅନ୍ତି ତେବେ ତାଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ପହଞ୍ଚାଯିବ । ଏଥିପାଇଁ ମତଦାନ ଦିବସ ଗୁଡ଼ିକରେ ଅଧିକ ସଂଖ୍ୟକ ଆମ୍ବୁଲାନ୍ସ ମହଜୁଦ୍‌ ରଖାଯିବ । ସୂଚନା-ଶିକ୍ଷା-ପ୍ରଚାର ମାଧ୍ୟମରେ ଅଂଶୁଘାତ ସତର୍କତା ବାର୍ତ୍ତା ଜନସାଧାରଣଙ୍କ ପାଖକୁ ପହଞ୍ଚାଇ ଦିଆଯିବ । ଏହା ସହ ପ୍ରତିଟି ବୁଥ୍‌ରେ ଜଳଛତ୍ର ଖୋଲାଯିବା ସହିତ ଓଆରଏସ୍‌ ଉପଲବ୍ଧ କରାଯିବ । ପ୍ରିଜାଇଡିଂ ଅଫିସର ଓ ପୋଲିଂ ଅଫିସରମାନଙ୍କ ଦ୍ୱିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ସମୟରେ ସେମାନଙ୍କୁ ଅଂଶୁଘାତ ସମ୍ବନ୍ଧୀୟ ସଚେତନତା ପ୍ରଶିକ୍ଷଣ ଡାକ୍ତରମାନେ ଦେବେ । ଏହି ସମସ୍ତ ବ୍ୟବସ୍ଥା ମାଧ୍ୟମରେ ମତଦାତାମାନଙ୍କୁ ମତଦାନର ଏକ ସ୍ମରଣୀୟ ଅନୁଭବ ଦେବା ପାଇଁ ନିରନ୍ତର ଉଦ୍ୟମ କରାଯାଉଛି ବୋଲି ଶ୍ରୀ ଧଳ ମତ ଦେଇଥିଲେ ।

ଏହି କ୍ରମରେ ନିର୍ବାଚନ ପ୍ରକ୍ରିୟାରେ ସାମିଲ ହେଉଥିବା ସମସ୍ତ ଅଧିକାରୀଙ୍କ ପାଇଁ ଉଚିତ ବ୍ୟବସ୍ଥା କରାଯିବା ବିଷୟରେ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଥିଲେ । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଭିତରେ ମଧ୍ୟ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା ସମସ୍ତ ଅଧିକାରୀ ଓ ସୁରକ୍ଷା କର୍ମଚାରୀମାନେ ନିଜ ନିଜର ଦାୟିତ୍ୱ ସଂପାଦନ କରିବାକୁ ଯାଉଛନ୍ତି । ତେଣୁ ସେମାନଙ୍କ ସୁରକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଶ୍ରୀ ଧଳ କହିଥିଲେ । ସେଥିପାଇଁ ସେମାନଙ୍କ ରହିବା ବ୍ୟବସ୍ଥା, ଗମନାଗମନ ସୁବିଧା ଓ ଖାଦ୍ୟ ବ୍ୟବସ୍ଥା ବିଷୟରେ ଆଲୋଚନା ହୋଇଥିଲା । ସେମାନେ ଯେପରି ନିର୍ବାଚନ କାର୍ଯ୍ୟ କରିବା ସମୟରେ ଅଂଶୁଘାତର ଶିକାର ନ ହୁଅନ୍ତି ସେଥିପ୍ରତି ଯତ୍ନବାନ ହେବାକୁ ପଡ଼ିବ ବୋଲି ଶ୍ରୀ ଧଳ ମତପ୍ରକାଶ କରିଥିଲେ ।

ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା ମହିଳା କର୍ମଚାରୀଙ୍କ ବିଷୟରେ ସ୍ୱତନ୍ତ୍ର ଆଲୋଚନା ହୋଇଥିଲା । ସମସ୍ତ ବୁଥ୍‌ ର ସୁରକ୍ଷା ପାଇଁ ସୁ-ଉଚ୍ଚ ପାଚେରୀର ବ୍ୟବସ୍ଥା କରାଯାଇଛି । ଯେଉଁ ବୁଥ୍‌ଗୁଡ଼ିକ ସଖି ବୁଥ୍‌ (ସଂପୂର୍ଣ୍ଣ ରୂପେ ମହିଳା ପରିଚାଳିତ ବୁଥ୍‌) ଭାବେ ଚିହ୍ନଟ କରାଯାଇଛି, ସେଠାରେ ସୁରକ୍ଷା କର୍ମଚାରୀ ମଧ୍ୟ ମହିଳା ରହିବେ । ଓଡ଼ିଶାରେ ନିୟୋଜିତ ନିର୍ବାଚନ କର୍ମଚାରୀଙ୍କ ମଧ୍ୟରେ ପ୍ରାୟ ୩୦% ମହିଳା କର୍ମଚାରୀ ରହିଛନ୍ତି ।

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବହୁଳ ପ୍ରଚେଷ୍ଟାରେ ଭୋଟର ତାଲିକା ପ୍ରତି ଏକ ହଜାର ପୁରୁଷ ଭୋଟର ପିଛା ମହିଳା ଭୋଟରଙ୍କ ସଂଖ୍ୟା ୯୬୧ ରୁ ୯୭୪କୁ ବୃଦ୍ଧି ପାଇଛି । ଏହା ଏକ ଗୌରବର ବିଷୟ ଓ ମହିଳାମାନେ ଯେପରି ପ୍ରାଥମିକତା ଭିତ୍ତିରେ ମତଦାନ କରିବେ, ସେଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ଏହି ସମସ୍ତ ବ୍ୟବସ୍ଥା ଯେପରି ଉପଯୁକ୍ତ ଭାବରେ ତୃଣମୂଳ ସ୍ତରେ ଲାଗୁହେବ, ସେଥି ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ଉପସ୍ଥିତ ସମସ୍ତ ବରିଷ୍ଠ ଅଧିକାରୀମାନଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.