Latest Odisha News

ଚିକିଟି ମଦ ଘଟଣା; ‘ସଂପୃକ୍ତଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଚିକିଟି ଠାରେ ହୋଇଥିବା ମଦ ଘଟଣା ନେଇ ପ୍ରତିକ୍ରିୟା ରଖିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବେଆଇନ ମଦ କାରବାର ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ । ଏହାସହ ବେଆଇନ ତଥା ଚୋରା ମଦ କାରବାରକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

ରାଜ୍ୟରେ ବେଆଇନ ମଦ କାରବାର କେବେ ବି ଗ୍ରହଣୀୟ ନୁହେଁ । ତେଣୁ ଏହି ଘଟଣା ନେଇ ରାଜ୍ୟର ସମସ୍ତ ଅଞ୍ଚଳରେ ତୀକ୍ଷ୍ଣ ଦୃଷ୍ଟି ରଖିବା ସହିତ ବେଆଇନ ମଦ ଭାଟି ଓ ବିକ୍ରି ସ୍ଥାନରେ ଚଢ଼ାଉ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ସହ ଚିକିଟି ଘଟଣାରେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କୁ ସ୍ବତନ୍ତ୍ର ଚିକିତ୍ସା ସହାୟତା ଯୋଗାଇ ଦେବାକୁ ମନ୍ତ୍ରୀ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ଚିକିତ୍ସିତ ହେଉଥିବା ସମସ୍ତଙ୍କ ଅବସ୍ଥା ଭଲ ଅଛି ବୋଲି ଜଣାପଡ଼ିଛି । ଏହି ଘଟଣାରେ ବ୍ରହ୍ମପୁରର ଅବକାରୀ ସୁପରିଟେଣ୍ଡେଣ୍ଟଙ୍କୁ କାର୍ଯ୍ୟରୁ ଅପସାରଣ ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି I

ନିକଟରେ ଗଞ୍ଜାମ ଜିଲ୍ଲା ଚିକିଟି ଠାରେ ହୋଇଥିବା ମଦ ଘଟଣା ନେଇ ମନ୍ତ୍ରୀ ହରିଚନ୍ଦନ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଏବଂ ଅବକାରୀ କମିଶନର ନରସିଂହ ଭୋଳଙ୍କ ସହ ଆଲୋଚନା କରିବା ସହ ଏ ସମ୍ପର୍କରେ ସବିଶେଷ ତଥ୍ୟ ମାଗିଥିଲେ ।

Comments are closed.