Latest Odisha News

୨ ଦିନ ପ୍ରବଳ ବର୍ଷା, ୨୭ ସକାଳ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁ ସାରିଥିବା ବେଳେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ଆଜି ଓ ଆସନ୍ତାକାଲି ବିକ୍ଷୀପ୍ତ ବର୍ଷା ହେବାକୁ ଥିବା ବେଳେ ୨୭ରୁ ବର୍ଷାର ପରିମାଣ କମିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଜି ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ବିକ୍ଷୀପ୍ତରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ପ୍ରବଳ ବର୍ଷା ନେଇ ନବରଙ୍ଗପୁର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।

ଆସନ୍ତାକାଲି ୨୬ ତାରିଖରେ ବରଗଡ଼, ବଲାଙ୍ଗିର, କଳାହାଣ୍ଡି, ନୂଆପଡ଼ାରେ ବିକ୍ଷୀପ୍ତ ବର୍ଷା ହେବାକୁ ଥିବା ବେଳେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି । ସେହିଭଳି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୨୭ ତାରିଖରୁ କମିବ ବର୍ଷାର ପରିମାଣ । ୨୭ରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୨୮ ଓ ୨୯ ତାରିଖରେ ଉତ୍ତର ଓଡ଼ିଶା ସହ ଅନ୍ୟ କିଛି ଜିଲ୍ଲାରେ ଘଡ଼ଘଡ଼ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ତେବେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ଉତ୍ତରପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଓଡ଼଼ିଶା-ପଶ୍ଚିମଙ୍ଗ ଉପକୂଳରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିପାରେ । ୨୭ ତାରିଖ ସକାଳ ଯାଏ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ସହ ଓଡ଼ିଶା ଉପକୂଳ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave A Reply

Your email address will not be published.