Latest Odisha News

BREAKING NEWS

ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ

ପୁରୀ: ଶ୍ରୀମନ୍ଦିରରେ ଆଜି ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଯାଇଛି। ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଥିଲା।

ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉ ଥିବାବେଳେ ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି।

କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟା ଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି।

ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ଶ୍ରୀମନ୍ଦିର ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଛି। କିନ୍ତୁ ମହାପ୍ରଭୁ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।

ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରନ୍ତି। ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦର୍ଶନ ଦଅନ୍ତି।

 

Comments are closed.