ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ବର୍ଷିବ । ଆଜି ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜିଠାରୁ ୨୩ ତାରିଖ ସକାଳ ପର୍ୟ୍ୟନ୍ତ ଝାରସୁଗୁଡା ଓ ସୁନ୍ଦରଗଡରେ କେତୋଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହି ଦୁଇଟି ଜିଲ୍ଲାକୁ ଆଚଂଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆସନ୍ତାକାଲି ସକାଳ ୮ଟା ୩୦ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ଦୁଇ ଜିଲ୍ଲାବାସୀଙ୍କୁ ସୂଚନା ଦିଆଯାଇଛି ।
ଏହାସହ ୨୪ରୁ ୨୫ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ନୂଆପଡା ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୁରଭଞ୍ଜରେ ବର୍ଷାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ସେପଟେ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ବର୍ଷା ପରେ ଆଜି ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ । ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଥିଲା । ବର୍ଷା ଯୋଗୁଁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଥିଲା ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବା ପରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଛି । ରାଜ୍ୟରେ ସର୍ବାଧିକ ୧୪୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ବରରେ ସର୍ବାଧିକ ୧୨୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।
Comments are closed.