Latest Odisha News

BREAKING NEWS

ଲଘୁଚାପ ବର୍ଷା ଜାରି, ୮ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ସାରା ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା । ୮ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼,ବଲାଙ୍ଗିର, ସୁବର୍ଣ୍ଣପୁର, ଅନୁଗୁଳ ଏବଂ ଦେବଗଡ଼। ସବୁ ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରହିଛି ।।

କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ମଧ୍ୟ ରହିଛି ।  ଉତ୍ତର ଓଡ଼ିଶା ଆଭ୍ୟନ୍ତରୀଣ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଗତ ୧୪ ଦିନ ମଧ୍ୟରେ ରାଜ୍ୟରେ ୯୫.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

ସ୍ୱାଭାବିକ ଠାରୁ ୩୪ ପ୍ରତିଶତ ଅଧିକ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ୧୧ ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ ୬୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଥିବା ବେଳେ, ୫ଟି ଜିଲ୍ଲାରେ ୨୧ ପ୍ରତିଶତ ଅଧିକ ବର୍ଷା ହୋଇଛି । ବାକି ୧୪ ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି । ରାଜ୍ୟରେ ବର୍ତ୍ତମାନ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ ବର୍ତ୍ତମାନ ଦକ୍ଷିଣ ଝାଡଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ସକ୍ରିୟ ରହିଛି ।

Comments are closed.